Get Updates
Get notified of breaking news, exclusive insights, and must-see stories!

ଆସନ୍ତୁ ଜାଣିବା ମାଣବସା ଗୁରୁବାରର ମହତ୍ତ୍ବ

ମାଣବସା ଗୁରୁବାର ଓଷା ଓଡ଼ିଶାରେ ପାଳିତ ଏକ କୃଷିଭିତ୍ତିକ ପର୍ବ। ଏହି ପର୍ବରେ ମହାଲକ୍ଷ୍ମୀଙ୍କୁ ଗୃହରେ ଧନଧାନ୍ୟ ବୃଦ୍ଧି ନିମନ୍ତେ ମଧ୍ୟ ପୂଜା କରାଯାଏ। ମାର୍ଗଶିର ମାସରେ ଓଡ଼ିଆ ନାରୀମାନେ ଏହି ଓଷା ପାଳନ କରିଥାନ୍ତି। ଏହି ପୂଜା ଅନ୍ୟ ଦେଶ ଓ ରାଜ୍ୟମାନଙ୍କରେ ପ୍ରଚଳନ ନାହିଁ । ମାଣବସା ଓଷାକୁ ଲକ୍ଷ୍ମୀପୂଜା ମଧ୍ୟ କୁହାଯାଏ। ଏହି ଓଷାକୁ ଓଡ଼ିଶାର ସମସ୍ତ ଜାତିର ଲୋକେ ପାଳନ କରିଥାନ୍ତି। ଏହି ସମୟରେ ଧନଧାନ୍ୟ, ବାତ୍ସଲ୍ୟ ଓ ଦୟାକ୍ଷମାର ପ୍ରତିମୂର୍ତ୍ତି ରୂପେ ଲକ୍ଷ୍ମୀଙ୍କୁ କଳ୍ପନା କରାଯାଇ ଘରର ଶ୍ରୀ, ସମୃଦ୍ଧି, ପରିଷ୍କାର-ପରିଚ୍ଛନ୍ନତା ଆଦି ପ୍ରତି ଦୃଷ୍ଟି ଦିଆଯାଇଥାଏ। ମାର୍ଗଶିର ମାସରେ ପୂଜା ଘରେ ଧାନ ମେଣ୍ଟା ବା "ଧାନବେଣୀ" ରେ ସଜାଯାଇଥାଏ । ଧାନକେଣ୍ଡାକୁ ଗୁନ୍ଥି ଏହି ମେଣ୍ଟା ବା ବେଣୀ ତିଆରି କରାଯାଏ ।

maa laxmi

ମାଣବସା ଗୁରୁବାରର କିମ୍ବଦନ୍ତୀ

ମାଣବସା ଗୁରୁବାରର କିମ୍ବଦନ୍ତୀ ବଳରାମ ଦାସଙ୍କ ଲକ୍ଷ୍ମୀ ପୁରାଣରେ ବଖଣାଯାଇଛି । ଏଥି ମତେ ଦାସଦାସୀ ପରିବେଷ୍ଟିତ ଲକ୍ଷ୍ମୀ ଦିନେ ସ୍ୱାମୀଙ୍କ ଠାରୁ ମାଣବସା ଗୁରୁବାର ଅନୁମତି ନେଇ ଦେଶ ଭ୍ରମଣରେ ବ୍ରାହ୍ମଣୀରୁ ପରେ ବଡ଼ ଦେଉଳରୁ ବିଜେ କଲେ । କିଏ ତାଙ୍କୁ ପୂଜୁଛି ତାହା ଜାଣିବା ନିମନ୍ତେ ସେ ଘର ଘର ବୁଲିଲେ । ଅନେକ ଧନୀ, ବଡ଼ ଲୋକ ସେଦିନ ଗୁରୁବାର ବୋଲି ଭୁଲି ଯାଇଥିବା ଦେଖିବା ପରେ ସେ ଶ୍ରୀୟା ନାମକ ଜଣେ ଚଣ୍ଡାଳୁଣୀ ଘରେ ପହଞ୍ଚିଥିଲେ। ଘରଦ୍ୱାର ପରିଷ୍କାର କରି ଲିପାପୋଛା କରି ଶ୍ରୀୟା ତାଙ୍କ ପୂଜା ପାଇଁ ସଜ, ଭୋଗ-ନୈବେଦ୍ୟ ଆଦି ସଜାଡ଼ି ରଖୁଥିଲା । ଲକ୍ଷ୍ମୀ ତାହାଙ୍କ ଭକ୍ତିରେ ମୁଗ୍ଧ ହୋଇ ସେଠାରେ ହିଁ ରହିଗଲେ । ଏହା ଶୁଣି ବଳରାମ କୋପକଲେ । ସେତେବେଳର ସମାଜରେ ଅଛୁଆଁ ଭାବେ ଗଣା ଯାଉଥିବା ଚଣ୍ଡାଳୁଣୀର ଘରେ ପାଦ ଦେଇଥିବାରୁ ବଡ଼ଦେଉଳ ଦ୍ୱାର ଲକ୍ଷ୍ମୀଙ୍କ ପାଇଁ ବନ୍ଦ ହୋଇଥିଲା । ଅପମାନିତ ହୋଇ ସେ ଘରୁ ବାହାରି ଗଲେ । ଯିବା ବେଳେ ପଣ କଲେ କାଳିଆ-ବଳିଆ (ଜଗନ୍ନାଥ-ବଳଭଦ୍ର) ଦୁଇ ଭାଇଙ୍କୁ ଉଚିତ ଶିକ୍ଷା ଦେବେ । ଲକ୍ଷ୍ମୀଙ୍କ ନିର୍ଦ୍ଦେଶରେ ସମୁଦ୍ର କୂଳରେ ଆଉ ଏକ ପ୍ରାସାଦ ଗଢ଼ାହେଲା ତାଳବେତାଳ ବଡ଼ଦେଉଳରୁ ସବୁ ଜିନିଷ ଲୁଟିନେଇ ତାହାକୁ ଶ୍ରୀହୀନ କରିଦେଲେ । ଖାଇବାକୁ ନପାଇ ଦୁଇଭାଇ ଭୋକରେ ଆଉଟୁ ପାଉଟୁ ହୋଇ ଶେଷରେ ସେହି ପ୍ରାସାଦ ସମ୍ମୁ ଖରେ ପହଞ୍ଚିଲେ। ପ୍ରାସାଦ ମାଲିକାଣୀଙ୍କ ଅତିଥେୟତାରେ ବିମୁଗ୍ଧ ହୋଇ ସେମାନେ ପ୍ରାସାଦ ମାଲିକ/ମାଲିକାଣୀଙ୍କୁ ଲୋଡ଼ିଲେ। ଆଉ ପରିଚୟ ପାଇବା ପରେ ନିଜକୁ ଲଜ୍ଜିତ ମନେ କଲେ ଦୁଇ ଭାଇ । ଶୁଚିଶୁଦ୍ଧ ଲୋକର ଦ୍ୱାରକୁ ଯିବାକୁ ବାରଣ ନାହିଁ କି ଛୁଆଁ ଅଛୁଆଁ ଭେଦଭାବ ରହିବ ନାହିଁ ବୋଲି ପ୍ରତିଶ୍ରୁତି ପାଇବା ପରେ ଲକ୍ଷ୍ମୀ ଶ୍ରୀମନ୍ଦିରକୁ ବାହୁଡ଼ିଥିଲେ ।

ମାର୍ଗଶିର ମାସରେ ପ୍ରଥମ ଧାନ ଅମଳ ଆରମ୍ଭ ହୁଏ । ଚାଷୀ ତା' ର ଖଳାକୁ ଧାନହଳା ଆଣିଥାଏ । ଧାନ ଅମଳ କରି ଘରକୁ ଆଣିବା ଆଗରୁ ତା'ର ଘରଣୀ ଏଥିରୁ ଧଳାଧାନର ଶିଶା ବାଛି ବାହାର କରିଥାଏ। ଏହି ଧାନର ଶିଶାରେ ବେଣୀ ବାନ୍ଧି ମେଣ୍ଟିବା ମେଣ୍ଟା ପ୍ରସ୍ତୁତ କରି ଏହାକୁ ଶୁଖାଇ ଅତି ଯତ୍ନ ଓ ଆଦରରେ ରଖିଥାଏ । ଗୁରୁବାର ଓଷାର ପୂର୍ବଦିନରୁ ଘର ଦ୍ୱାର ଅଗଣା ଓ ଘର ଚାରିପାଖ ଗୋବର ମାଟିରେ ଲିପା ପୋଛା କରି ପରିଷ୍କାର କରିଥାଏ । ଅମଳ ପରେ ଖଳାରେ ସେହି ସ୍ତୁପୀକୃତ ଧାନକୁ ଅନ୍ନ ଓ ଧନର ଦେବୀ ଲକ୍ଷ୍ମୀଙ୍କର ଆଶିଷ ବୋଲି ମାନି ଏହି ଓଷା ପାଳନ କରାଯାଇଥାଏ ।


ଗୁରୁବାରର ଝୋଟି ବା ଚିତାକୁ 'ତ୍ରିଶାଖା ଗୁଚ୍ଛ' କୁହାଯାଏ:

ମାଣବସା ଗୁରୁବାର ଓଷା ପୂର୍ବଦିନ ରାତିରେ ଗୃହିଣୀମାନେ ଘରଦ୍ଵାର ଲିପାପୋଛା କରି ଝୋଟିଚିତା ପକାଇଥାନ୍ତି । ଗୁରୁବାର ଦିନ ବଡ଼ିଭୋରରୁ ଉଠି ନାରୀମାନେ ସ୍ନାନାଦି କାର୍ଯ୍ୟ ସାରି ଲକ୍ଷ୍ମୀଙ୍କ ପୂଜା ଆରମ୍ଭ କରିଥାନ୍ତି । ଗାଁମାନଙ୍କରେ ମହିଳାମାନେ ମାଟିଘରକୁ ଗୋବରରେ ଲିପାପୋଛା କରି ନୂତନ ଚାଉଳର ପିଠଉରେ ଝୋଟି ଏବଂ ଲକ୍ଷ୍ମୀପାଦରେ ଆଙ୍କନ୍ତି । ଘରର ପ୍ରତ୍ୟକ ଦୁଆର ଅଗଣା କାନ୍ଥ ଓ ଚାରିପାଖ ଝୋଟି ଚିତା ଦ୍ୱାରା ସଜାଯାଇଥାଏ । ମାଣ ଖଟୁଲି ଉପରେ ଏକ ନୂଆ ମାଣରେ ଧଳାଧାନ ଭରି ରଖାଯାଏ । ହଳଦୀ ଓ ଗୁଗୁଳ ବାଟି ମାଣର ଉପରପାଶ୍ୱର୍ରେ ଲେପ ଦିଆଯାଏ ଯାହାଏକ ମୁହଁର ରୂପ ନେଇଥାଏ ।

ଝୋଟି ଚିତା jhoti chita

ସେଥିରେ କଉଡିକୁ ଆଖିଭାବେ ବ୍ୟବାରକରି ନିଜର ସୃଜନ ଶୈଳିଦ୍ୱାରା ମାଣକୁ ଏକ ସୁନ୍ଦର ମୁହଁର ରୂପ ଦେଇ ଖଟୁଲିରେ ରଖି ତା ଉପରେ ଧାନର ମେଣ୍ଟାକୁ ରଖାଯାଏ । ନାଲିଛିଟ ଓ ସୁନ୍ଦର ପାଟକନାରେ ଓଢଣୀ ଦେଇ ଏହାକୁ ଏକ ନବ ବଧୂର ରୂପ ସଦୃଶ କରାଯାଏ । କେହି କେହି ମାଣକୁ କାରିଗର ଦ୍ୱାରା ଗଢାଇ ସୋଲ ଓ ଅନ୍ୟାନ୍ୟ ଦ୍ରବ୍ୟରେ ସେଥିରେ ଆଖି, ନାକ, କାନ ସୁନ୍ଦର ଭାବେ ଗଢାଇ ପୂଜା କରିଥାନ୍ତି । ମା'ଲକ୍ଷ୍ମୀଙ୍କର ଖଟୁଲି ବା ଆସ୍ଥାନ ଚାରିପଟେ ଷୋଳ ପାଖୁଡା ବିଶିଷ୍ଟ ଦିବ୍ୟ, ପଦ୍ମ ଅଙ୍କନ କରାଯାଇଥାଏ । ଘରର ଚତୁଃପାଶ୍ୱର୍ରୁ ମା'ଙ୍କର ପଦ୍ମ ପାଦର ଚିତା ଆସ୍ଥାନ ପର୍ଯ୍ୟନ୍ତ ଅଙ୍କାଯାଏ । କେହି କେହି ଗବପତ୍ର, ଗୟାତୁଳସୀ, କଳାପାତି, ସିନ୍ଦର ଫରୁଆ, ପିତ୍ତଳମୂର୍ତ୍ତି ଇତ୍ୟାଦି ମଧ୍ୟ ରଖିଥାନ୍ତି । ଧାନଖଳାକୁ ମଧ୍ୟ ସେଦିନ ଝୋଟିଚିତାରେ ଚିତ୍ରିତ କରାଯାଇଥାଏ । ଲକ୍ଷ୍ମୀଙ୍କର ସ୍ଥାପନା ପାଇଁ ଠାକୁରଘରର ଏକ ସ୍ଵତନ୍ତ୍ର ସ୍ଥାନ ନିରୂପଣ କରାଯାଏ । ପୂଜାସ୍ଥାନରେ ପିଠଉରେ କୋଠି କରି ଷୋହଳ ପାଖୁଡା ପଦ୍ମଫୁଲ ଅଙ୍କାଯାଏ । ପୂଜା ପାଇଁ ପୂର୍ବରୁ ପ୍ରସ୍ତୁତ କରି ରଖାଯାଇଥାଏ ଅମଳ ହୋଇଥିବା ଶୁକ୍ଳଧାନ , ମାଣ, ଗୁଆ, କଉଡି, ନଡିଆ, ଦୁବ, ବରକୋଳି ପତ୍ର, ସିନ୍ଦୂର, ଧୂପଦୀପ ଓ ନୈବେଦ୍ୟ । ମାଣ ବସାଇବା ପୂର୍ବରୁ ସେହିମାଣକୁ ହଳଦୀ ପାଣିରେ ଧୋଇ ଖରାରେ ଶୁଖିଯିବା ପରେ ସିନ୍ଦୂର ବୋଳାଯାଏ । ପ୍ରଥମେ ଏକ ଖଟୁଲିରେ କିଛି ନୂଆଧାନ ରଖାଯାଏ । ସିନ୍ଦୂର ବୋଳାଯାଇଥିବା ମାଣ ବା ଗଉଣୀକୁ ଲକ୍ଷ୍ମୀ ଦେବୀଙ୍କର ପ୍ରତୀକ ସ୍ଵରୂପ ନୂଆ ଧଳାଧାନରେ ପୂର୍ଣ୍ଣକରି ତା' ଉପରେ ଗୁଆ ରଖାଯାଏ । ସେହି ମାଣକୁ ଖଟୁଲି ଉପରେ ବସାଇ ତା'ଉପରେ ଧାନବେଣୀ ରଖି ନୂତନ ପାଟଲୁଗାର ଓଢ଼ଣୀ ଢଙ୍କାଯାଏ । ଲକ୍ଷ୍ମୀଙ୍କୁ ଏକ ନବବଧୂ ବେଶରେ ସଜାଯାଇ ଚନ୍ଦନ ସିନ୍ଦୂର ଆଦି ଦେଇ ସ୍ଥାପନା କରାଯାଏ । ବିଧି ଅନୁଯାୟୀ ଖଟୁଲି ଉପରେ ଲକ୍ଷ୍ମୀଙ୍କର କାଠରେ ନିର୍ମିତ ପ୍ରତିମା, ପାନିଆଁ, ଆଇନା, କଜ୍ଜଳ ଏବଂ ଖଟୁଲି ପାଖରେ ଆଖୁ, ମୂଳା ନିକଟରେ ରଖାଯାଇଥାଏ ।

ଗୁରୁବାର ଲାଗି ହେଉଥିବା ଭୋଗ

ପୂଜା କାଳରେ ଧୂପ, ଦୀପ ଓ ନୈବେଦ୍ୟ ଆଦି ଅର୍ପଣ କରାଯାଏ ଲକ୍ଷ୍ମୀଙ୍କ ପାଖରେ । ପିଠାପଣା ଓ ଫଳମୂଳ ଭୋଗ (କଦଳୀ, ଛେନା, ନଡ଼ିଆ, ଗୁଡ଼, ଗୋଲମରିଚ ଓ ଅନ୍ୟାନ୍ୟ ଫଳ ) ଲକ୍ଷ୍ମୀଙ୍କ ପାଖରେ ଲଗାଯାଏ । ଏଥି ସହିତ ମଣ୍ଡା ପିଠା ତିଆରି କରାଯାଇ ଭୋଗ ଦିଆଯାଇଥାଏ । ବିଭିନ୍ନ ପାଳିରେ ଭିନ୍ନ ଭିନ୍ନ ପିଠାପଣା ପ୍ରସ୍ତୁତ କରି ଲକ୍ଷ୍ମୀଙ୍କୁ ପାଖରେ ଲାଗି କରାଯାଇଥାଏ । ଲକ୍ଷ୍ମୀଙ୍କୁ ଧୂପ, ଦୀପ, ନେବେଦ୍ୟ ସହ ବାଳଭୋଗରେ ଛୋନା, ଗୁଡ଼, ନଡ଼ିଆ, କଦଳୀକୁ ଚକଟି ଭୋଗ ଲଗାଯାଏ । ୩ ଧୂପ ମଧ୍ୟରୁ ଏହାକୁ ବାଳଧୂପ କୁହାଯାଏ । ଏହାପରେ ମଧ୍ୟାହ୍ନ ଧୂପପାଇଁ ପ୍ରସ୍ତୁତି ଆରମ୍ଭ ହୁଏ । ମଧ୍ୟାହ୍ନରେ ଶଙ୍କୁଡ଼ି ଧୂପରେ ଲାଗିହେବା ପାଇଁ ଖିରି ବା ତରଣ, ଚକୁଳିପିଠା, ତରକାରି ଇତ୍ୟାଦି ପ୍ରସ୍ତୁତ କରାଯାଇ ଶ୍ରଦ୍ଧାର ସହ ଭୋଗ ଲଗାଯାଏ । ମଧ୍ୟାହ୍ନ ଭୋଗପରେ ମା'ଙ୍କ ସମ୍ମୁଖରେ ଲକ୍ଷ୍ମୀ ପୁରାଣ ବୋଲାଯାଏ । ଏହି ଭୋଗ ଘରର ପ୍ରତ୍ୟେକ ସଦସ୍ୟ ଖାଇଥାନ୍ତି । ଏହିଭୋଗକୁ ପରିବାର ଛଡ଼ା ଅନ୍ୟ କାହାକୁ ନଦେବାର ନିୟମ ଅଛି । ଗୋଧୂଳି ସମୟରେ ସନ୍ଧ୍ୟା ଧୂପରେ ଆଉଥରେ ବାଳଧୂପପରି ଭୋଗ ଲଗାଯାଇ ସଧ୍ୟା ପୂଜା କରାଯାଏ । ୨ୟ ଗୁରୁବାରରେ ଚିତଉପିଠା, ଦହିକାଲୁଆ, ୩ୟରେ ଖେଚୁଡ଼ି-ଡାଲମା ଏବଂ ୪ର୍ଥରେ ମଣ୍ଡା ପିଠା ଭୋଗ ଲାଗି ହୋଇଥାଏ।
ମାର୍ଗଶିର ମାସର ଶେଷ ଗୁରୁବାର ଦିନ ବ୍ରତ ସାରି ଉଜୁଆ ଯାଏ ।

manabasa gurubar ମାଣବସା

ଏହି ଦିନ ପୂର୍ବଭଳି ସମସ୍ତ ନୀତିରେ ମାଣ ବସାଇ ମଣ୍ଡା ପିଠା ଓ ଖିରି ଭୋଗ କରାଯାଏ । ସଞ୍ଜ ଭୋଗ ପରେ ସେହି ମାଣରେ ଥିବା ଧାନକୁ ଆଉ ଏକ ଜାଗାରେ ଅଜାଡ଼ି ରଖାଯାଏ । ପୂଜାର ଅନ୍ୟ ସମସ୍ତ ସଜକୁ ସହକାରେ ନେଇ ପୋଖରୀ ଆଦି ଜଳାଶୟରେ ବିସର୍ଜନ କରାଯାଏ । ପୂଜାରେ ବ୍ୟବହୃତ ଧାନକୁ କୁଟି ସେହି ଚାଉଳରେ ଖିରି ବା ଜାଉ ରାନ୍ଧି କେବଳ ଘର ଲୋକଙ୍କ ମଧ୍ୟରେ ଖିଆଯାଏ । ଏହିପରି ଲକ୍ଷ୍ମୀଙ୍କୁ ଆବାହନ କରିବାଠାରୁ ବିସର୍ଜନ କରାଯିବା ପର୍ଯ୍ୟନ୍ତ ସମସ୍ତ ବିଧି ବିଧାନକୁ ପାଳନ କରି ଘରର ଉନ୍ନତି କାମନା କରାଯାଏ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+