କାଳିଆ ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ, ୫୩ ଲକ୍ଷ ଚାଷୀ ପାଇଲେ ୧୨୭୨ କୋଟି
ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ୫୩ ଲକ୍ଷରୁ ଅଧିକ ଚାଷୀଙ୍କୁ ୨୦୦୦ ଟଙ୍କା ଲେଖାଏଁ କାଳିଆ ସହାୟତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ।
ଭୁବନେଶ୍ବର: ଚାଷୀଙ୍କୁ ମିଳିଲା କାଳିଆ ଯୋଜନା ତୃତୀୟ କିସ୍ତି। ଆଜି ଆନୁଷ୍ଠାନିକ ଭାବେ ଏହାର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ୫୩ ଲକ୍ଷରୁ ଅଧିକ ଚାଷୀଙ୍କୁ ୨୦୦୦ ଟଙ୍କା ଲେଖାଏଁ କାଳିଆ ସହାୟତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ । ସମୁଦାୟ ୧୨୭୨ କୋଟିରୁ ଅଧିକ ଟଙ୍କା ପ୍ରଦାନ କରାଯାଇଛି। ଏହି ଟଙ୍କା ଚାଷୀମାନଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ପ୍ରଦାନ କରାଯାଇଛି।
ସୂଚନାଯୋଗ୍ୟ ଯେ କ୍ଷୁଦ୍ର, ନାମମାତ୍ର ଓ ଭୂମିହୀନ ଚାଷୀ ମାନଙ୍କୁ କୃଷି ଓ ଆନୁଷାଙ୍ଗିକ କାର୍ଯ୍ୟରେ ସହାୟତା କରିବା ପାଇଁ 2019 ମସିହାରେ କାଳିଆ ଯୋଜନା ଆରମ୍ଭ ହୋଇଥିଲା । ବିଶ୍ବବ୍ୟାଙ୍କ ତଥ୍ୟ ଅନୁଯାୟୀ କାଳିଆ ଯୋଜନା କାର୍ଯ୍ୟକାରୀ ହେବା ପରେ ପୂର୍ବ ବର୍ଷ ଅପେକ୍ଷା ଚାଷୀ ମାନଙ୍କ ଋଣ ଭାର ଅପେକ୍ଷାକୃତ କମିପାରିଛି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, 'ମୁଁ ଚାହେଁ, ମୋ ରାଜ୍ୟର ଚାଷୀ ତାର ଉତ୍ପାଦିତ ଜିନିଷର ଉଚିତ୍ ମୂଲ୍ୟ ପାଉ। ମୁଁ ଚାହେଁ, ଚାଷୀର ରୋଜଗାର ବଢୁ । ତାର ଜୀବନଧାରଣ ମାନରେ ଉନ୍ନତି ଆସୁ। ମୁଁ ଚାହେଁ ମୋ ରାଜ୍ୟର ଚାଷୀ ସମ୍ମାନର ସହ ବଞ୍ଚୁ । ଏହି ଲକ୍ଷ୍ୟ ନେଇ ମୁଁ କାମ କରୁଛି।'
କୃଷି ଆମ ଅର୍ଥନୀତିର ମୁଖ୍ୟ ଶକ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କରୋନା ସମୟରେ ଅର୍ଥନୀତିର ସବୁ କ୍ଷେତ୍ର ଗୁରୁତର ଭାବେ ପ୍ରଭାବିତ ହୋଇଥିଲା। କିନ୍ତୁ, ଆମର ଚାଷୀଭାଇ ମାନଙ୍କ ସାହସ ଓ ପରିଶ୍ରମ କୃଷି କ୍ଷେତ୍ରରେ ଉନ୍ନତି ଆଣିଛି ।ଚାଷୀ ଭାଇ ସଞ୍ଜିବନୀ ପରି ଦେଶର ଅର୍ଥନୀତିକୁ ରକ୍ଷା କରିପାରିଛି । 'ଚାଷୀର ତ୍ୟାଗକୁ, ତାର ପରିଶ୍ରମକୁ ମୁଁ ପ୍ରଣାମ କରୁଛି' ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଜିଲ୍ଲାରେ ଉପସ୍ଥିତ ଥିବା ଚାଷୀମାନଙ୍କ ସହିତ କାଳିଆ ସହାୟତା ସଂପର୍କରେ ଆଲୋଚନା କରିଥିଲେ । ଏଥି ସହିତ କାଳିଆ ଯୋଜନା ସଂପର୍କରେ ଏକ କ୍ଷୁଦ୍ର ଭିଡିଓ ଚିତ୍ର ପ୍ରଦର୍ଶିତ ହୋଇଥିଲା ।












Click it and Unblock the Notifications