ରୋଗୀଙ୍କ ଅବସ୍ଥା ସଂପର୍କରେ ସଂପର୍କୀୟଙ୍କୁ ସଠିକ ସୂଚନା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ
କୋଭିଡରେ ପୀଡିତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀମାନଙ୍କ ସଂପର୍କୀୟ ମାନେ ରୋଗୀଙ୍କ ଅବସ୍ଥା ସଂପର୍କରେ ଯେପରି ସଠିକ ସୂଚନା ପାଇପାରିବେ, ସେ ଦିଗରେ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ରାଜ୍ୟରେ କୋଭିଡ ସ୍ଥିତ ସମ୍ପର୍କରେ ସମୀକ୍ଷା କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଗତକାଲି ସର୍ବଦଳୀୟ ବୈଠକରେ ଘୋଷଣା କରିଥିବା କାର୍ଯ୍ୟକ୍ରମର ସଫଳ କାର୍ଯ୍ୟକାରୀତା ସହିତ ରୋଗୀଙ୍କ ଅବସ୍ଥା ସଂପର୍କରେ ସଂପର୍କୀୟଙ୍କୁ ସଠିକ ସୂଚନା ଦେବା ଏବଂ ଟିକାକରଣ କେନ୍ଦ୍ରମାନଙ୍କରେ ସାମାଜିକ ଦୂରତା ରକ୍ଷା କରିବା ଉପରେ ଗୁରୁତ୍ବ ଆରୋପ କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟରେ କୋଭିଡ ସ୍ଥିତି ଏବେ ନିୟନ୍ତ୍ରଣାଧୀନ ଅଛି । ରାଜ୍ୟରେ ସୁସ୍ଥ ହେଉଥିବା ରୋଗୀଙ୍କ ସଂଖ୍ୟା ନୂଆ ଚିହ୍ନଟ ହେଉଥିବା ରୋଗୀଙ୍କ ଠାରୁ ଅଧିକ ରହୁଛି । ଗତ ସପ୍ତାହରୁ କେତେକ ଜିଲ୍ଲାରେ ସଂକ୍ରମଣ କମିବା ମଧ୍ୟ ଆରମ୍ଭ କରିଛି । ରାଜ୍ୟରେ ପଡିଟିଭ୍ ହାର ମଧ୍ୟ କମିଛି । ଏ ସବୁ ପାଇଁ ଲକ୍ଡାଉନ ଓ ଲୋକଙ୍କ ମଧ୍ୟରେ ସଚେତନତାକୁ ମୁଖ୍ୟମନ୍ତ୍ରୀ ଶ୍ରେୟ ଦେଇଥିଲେ ।
ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆହୁରି କହିଛନ୍ତି, ସଂକ୍ରମଣ ହାରକୁ ସଂପୂର୍ଣ୍ଣ କମାଇବା ପାଇଁ ରାଜ୍ୟ ସରକାର ଲକ୍ଡାଉନ ଅବଧିକୁ ଆଉ ଦୁଇ ସପ୍ତାହ ବୃଦ୍ଧି କରିଛନ୍ତି । ଲୋକଙ୍କ ସହଯୋଗ ଉପରେ ପୂର୍ଣ୍ଣ ଆସ୍ଥା ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମେ ଯଦି ସମସ୍ତେ କୋଭିଡ ନିୟମ ମାନି ମାସ୍କ ପିନ୍ଧିବା, ବାରମ୍ବାର ସାବୁନରେ ହାତ ଧୋଇବା, ସାମାଜିକ ଦୂରତା ରକ୍ଷା କରିବା ଏବଂ ଅନାବଶ୍ୟକ ଭାବରେ ବାହାରେ ବୁଲିବା ବନ୍ଦ କରିଦେବା, ତେବେ ଆମେ ନିଶ୍ଚୟ ଏହି ଲଢେଇ ଜିତିପାରିବା ।
ଗତକାଲି ସର୍ବଦଳୀୟ ବୈଠକରେ ଘୋଷଣା କରାଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, କୋଭିଡ ଯୋଗୁଁ ଅନେକ ପରିବାର ଛାରଖାର ହୋଇଯାଇଛି । ତେଣୁ କୋଭିଡ ମୃତକଙ୍କ ବିଧବା ଏବଂ ବାପା-ମା'ଙ୍କୁ ହରାଇଥିବା ପିଲାମାନେ ଯେପରି ତୁରନ୍ତ ସହାୟତା ପାଇପାରିବେ, ସେଥିପାଇଁ ତୁରନ୍ତ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ସଂକ୍ରମଣ ରୋକିବାକୁ ମେ 24 ରୁ ଆରମ୍ଭ ହେବାକୁ ଥିବା ସର୍ଭେ ଯେପରି ସଂପୂର୍ଣ୍ଣ ତ୍ରୁଟିଶୂନ୍ୟ ହେବ, ତାକୁ ଆଖି ଆଗରେ ରଖି ଯୋଜନା ପ୍ରସ୍ତୁତ କରିବା ପାଇଁ ଜିଲ୍ଲାପାଳ ମାନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଏଥିରେ ପଞ୍ଚାୟତ ଓ ଗାଁ କଲ୍ୟାଣ ସମିତି ମାନଙ୍କୁ ସକ୍ରିୟ ଭାବେ ସାମିଲ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।
କୋଭିଡରେ ପୀଡିତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀମାନଙ୍କ ସଂପର୍କୀୟ ମାନେ ରୋଗୀଙ୍କ ଅବସ୍ଥା ସଂପର୍କରେ ଯେପରି ସଠିକ ସୂଚନା ପାଇପାରିବେ, ସେ ଦିଗରେ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ସେଥିପାଇଁ Helf Desk ବ୍ୟବସ୍ଥାରେ ଉନ୍ନତି ଆଣିବା ସହିତ ନିୟୋଜିତ କର୍ମଚାରୀମାନଙ୍କୁ ମାନବିକ ଦୃଷ୍ଟିଭଙ୍ଗୀ ନେଇ କାର୍ଯ୍ୟ କରିବା ପାଇଁ ସେ ପରାମର୍ଶ ଦେଇଥିଲେ ।
ଟିକାକରଣ କୋଭିଡ ନିୟନ୍ତ୍ରଣ ପାଇଁ ସବୁଠାରୁ ଗୁରୁତ୍ବପୂର୍ଣ୍ଣ ବୋଲି ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ ଟିକାକରଣ କେନ୍ଦ୍ର ମାନଙ୍କରେ ସାମାଜିକ ଦୂରତା ସୁନିଶ୍ଚିତ କରିବା ଉପରେ ଗୁରୁତ୍ବ ଦେଇଥିଲେ । ଲୋକମାନେ ଯେପରି ସୁବିଧାରେ ଟିକାକରଣ କେନ୍ଦ୍ରରେ ପହଞ୍ଚି ଟିକା ନେଇପାରିବେ, ସେଥିପାଇଁ ସେମାନଙ୍କୁ ଟିକାକରଣ କେନ୍ଦ୍ରର ସ୍ଥାନ ଓ ସମୟ ସଂପର୍କରେ ପୂର୍ବରୁ ସୂଚନା ଦେବା ପାଇଁ ପରାମର୍ଶ ଦେଇଥିଲେ ।












Click it and Unblock the Notifications