୧୬୯୦ କୋଟି ୪୬ ଲକ୍ଷ ଟଙ୍କାର କୋଭିଡ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ଆର୍ଥିକ ଓ ସାମାଜିକ ଦୁର୍ବଳ ଶ୍ରେଣୀର ଲୋକମାନଙ୍କ ପାଇଁ ୧୬୯୦ କୋଟି ୪୬ ଲକ୍ଷ ଟଙ୍କାର କୋଭିଡ ସହାୟତା ଘୋଷଣା କରିଛନ୍ତି ।
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ଆର୍ଥିକ ଓ ସାମାଜିକ ଦୁର୍ବଳ ଶ୍ରେଣୀର ଲୋକମାନଙ୍କ ପାଇଁ ୧୬୯୦ କୋଟି ୪୬ ଲକ୍ଷ ଟଙ୍କାର କୋଭିଡ ସହାୟତା ଘୋଷଣା କରିଛନ୍ତି । ଏହାଦ୍ବାରା ଭୂମିହୀନ ଚାଷୀ, ନିର୍ମାଣ ଶ୍ରମିକ, ସହରାଞ୍ଚଳର ଗରିବ ଲୋକ, ଆଦିମ ଜନଜାତି, ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀ, ଏନ୍.ଆର.ଇ.ଜି.ଏ ଶ୍ରମିକ, ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ସମସ୍ତେ ଉପକୃତ ହେବେ ।

ଏହି ପ୍ୟାକେଜ ଅନୁଯାୟୀ କାଳିଆ ଯୋଜନାର ହିତାଧିକାରୀ ରାଜ୍ୟର ୧୭ ଲକ୍ଷ ୮୩ ହଜାର ଭୂମିହୀନ ଚାଷୀ ପରିବାରଙ୍କୁ ପ୍ରତି ହିତାଧିକାରୀ ପିଚ୍ଛା ୧୦୦୦ ଟଙ୍କା ସ୍ବତନ୍ତ୍ର ସହାୟତା ଦିଆଯିବ । କାଳିଆ ଯୋଜନାରେ ସବୁ ଭୂମିହୀନ ଚାଷୀ ପରିବାରକୁ ମଧ୍ୟ ୩ଟି କିସ୍ତିରେ ୨୦୭ କୋଟି ଟଙ୍କା ସହାୟତା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।
ସେହିପରି କୋଭିଡ ଲକ୍ଡାଉନ ସମୟରେ ସହରାଂଚଳରେ ରହୁଥିବା ଗରିବ ଲୋକମାନଙ୍କୁ ରୋଜଗାର ଯୋଗାଇବା ପାଇଁ ରାଜ୍ୟ ସରକାର ମୁକ୍ତା ଯୋଜନା କାର୍ଯ୍ୟକାରୀ କରୁଛନ୍ତି । ଏହି ଯୋଜନାରେ ରାଜ୍ୟର ୧୧୪ଟି ପୌରସଂସ୍ଥା ମାନଙ୍କରେ ରହୁଥିବା ଗରିବ ଲୋକଙ୍କୁ ଡିସେମ୍ବର ୨୦୨୧ ପର୍ଯ୍ୟନ୍ତ ରୋଜଗାର ଯୋଗାଇବା ପାଇଁ ୨୬୦ କୋଟି ଟଙ୍କାର କାମ ଯୋଗାଇ ଦିଆଯିବ । NREGS ଯୋଜନାରେ କାମ କରୁଥିବା ଶ୍ରମିକ ମାନଙ୍କୁ ସେମାନଙ୍କର ଦୈନିକ ମଜୁରୀ ବ୍ୟତୀତ ପ୍ରତିଦିନ ଅଧିକ ୫୦ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ସହାୟତା ଭାବରେ ଦିଆଯିବ। ଅପ୍ରେଲ ୨୧ରୁ ଜୁନ୍ ୨୧ ମଧ୍ୟରେ ଏହି ବର୍ଦ୍ଧିତ ମଜୁରୀ ବାବଦକୁ ରାଜ୍ୟ ସରକାର ୩୦୦ କୋଟି ଟଙ୍କା ବହନ କରିବେ । ସୂଚନାଯୋଗ୍ୟ ଯେ ଏହି ସମୟ ମଧ୍ୟରେ NREGS ଯୋଜନାରେ ୬ କୋଟି ମାନବ ଦିବସ ସୃଷ୍ଟି କରାଯାଇଛି ।
ଖାଦ୍ୟ ନିରାପତ୍ତା ସବୁବେଳେ ରାଜ୍ୟ ସରକାରଙ୍କର ପ୍ରାଥମିକତା ରହିଆସିଛି । ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ହିତାଧିକାରୀ ମାନଙ୍କୁ ଜୁଲାଇରୁ ନଭେମ୍ବର ୨୧ ପର୍ଯ୍ୟନ୍ତ ୫ କେଜି ଲେଖାଏ ଚାଉଳ ପ୍ରତି ବ୍ୟକ୍ତିଙ୍କୁ ମାଗଣାରେ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏଥିପାଇଁ ୯୨.୮୬ କୋଟି ଟଙ୍କା ଖର୍ଚ୍ଚ କରାଯିବ ।
ଓଡିଶାରେ ଆମର ୧୩ଟି ଆଦିମ ଜନଜାତିର ୬୬,୨୧୪ ଜଣ ବ୍ୟକ୍ତି ବାସ କରୁଛନ୍ତି । ସେମାନଙ୍କୁ ଜୀବନଜୀବିକା ସହାୟତା ବାବଦରେ ପ୍ରତି ପରିବାରକୁ ୫୦୦୦ ଟଙ୍କା ଲେଖାଏ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏ ବାବଦରେ ୩୩.୧୦ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏହି ଟଙ୍କା ସେମାନଙ୍କର ବ୍ୟାଙ୍କ ଆକାଉଣ୍ଟରେ ସିଧାସଳଖ ଜମା କରାଯିବ । ତଫସିଲଭୁକ୍ତ ଜାତି ଓ ଜନଜାତିଙ୍କ ଛାତ୍ରଛାତ୍ରୀଙ୍କର ଅପ୍ରେଲରୁ ୨୧ରୁ ସେପ୍ଟେମ୍ବର ୨୧ ପର୍ଯ୍ୟନ୍ତ ସେମାନଙ୍କ pre-matric ଛାତ୍ର ବୃତ୍ତିକୁ ସେମାନଙ୍କ ପିତାମାତାଙ୍କ ବ୍ୟାଙ୍କ ଆକାଉଣ୍ଟରେ ସିଧାସଳଖ ଦୁଇଟି ପର୍ଯ୍ୟାୟରେ ଜମା କରାଯିବ । ଏ ବାବଦରେ ୨୫୨.୩୫ କୋଟି ଟଙ୍କା ଖର୍ଚ୍ଚ କରାଯିବ ଏବଂ ୫ ଲକ୍ଷ ୪୦ ହଜାର ଛାତ୍ରଛାତ୍ରୀ ଏଥିରେ ଉପକୃତ ହେବେ । ରାଜ୍ୟରେ ପଞ୍ଜୀକୃତ ନିର୍ମାଣ ଶ୍ରମିକ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୧୫୦୦ ଟଙ୍କା ଲେଖାଏ ସ୍ବତନ୍ତ୍ର କୋଭିଡ ସହାୟତା ଘୋଷଣା କରିଛନ୍ତି । ଏ ବାବଦରେ ୩୬୦ କୋଟି ଟଙ୍କା ଖର୍ଚ୍ଚ କରାଯିବ ।
ସ୍ବତନ୍ତ୍ର ବିଦ୍ୟାଳୟ ମାନଙ୍କରେ ପଢୁ ନ ଥିବା ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ମାନଙ୍କୁ ଦିଆଯାଉଥିବା ବାଣୀଶ୍ରୀ ଛାତ୍ରବୃତ୍ତି ଜାରି ରହିବ ଏବଂ ଅପ୍ରେଲରୁ ଜୁନ୍ ୨୧ ପର୍ଯ୍ୟନ୍ତ ସେମାନଙ୍କୁ ୨୦୦ରୁ ୩୫୦ ଟଙ୍କା ପର୍ଯ୍ୟନ୍ତ (ଶ୍ରେଣୀ ଅନୁସାରେ) ଛାତ୍ରବୃତ୍ତି ଯୋଗାଇ ଦିଆଯିବ । ଏହାଦ୍ବାରା ୨୬, ୪୬୫ ଛାତ୍ରଛାତ୍ରୀ ଉପକୃତ ହେବେ ଏବଂ ଏ ବାବଦରେ ୩ କୋଟି ୬୨ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ । ଘରେ ରହି ଅନ୍ଲାଇନ ଜରିଆରେ ପାଠ ପଢୁଥିବା ସ୍ବତନ୍ତ୍ର ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କର ଅପ୍ରେଲରୁ ଜୁନ୍ ୨୧ ପର୍ଯ୍ୟନ୍ତ ଖାଦ୍ୟ ଖର୍ଚ୍ଚ ବାବଦକୁ ପ୍ରତି ମାସରେ ୧୨୪୫ ଟଙ୍କା ଦିଆଯିବ। ଏହାଦ୍ବାରା ୬୪୭୧ ଜଣ ଛାତ୍ରଛାତ୍ରୀ ଉପକୃତ ହେବେ ଏବଂ ଏ ବାବଦରେ ୨ କୋଟି ୪୧ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ । ଅପ୍ରେଲରୁ ଜୁନ୍ ୨୧ ପର୍ଯ୍ୟନ୍ତ ଅଣ-ଆବାସିକ ଛାତ୍ରଛାତ୍ରୀ ମାନଙ୍କୁ ମାସିକ ୩୭୦ ଟଙ୍କା ଲେଖାଏ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏ ବାବଦରେ ୩ କୋଟି ୬୨ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ । ସେହିପରି ୩୪୪ ଜଣ ଅଣ-ଆବାସିକ ଛାତ୍ରଛାତ୍ରୀମାନଙ୍କୁ ଅପ୍ରେଲ ୨୧ରୁ ଜୁନ୍ ୨୧ ପର୍ଯ୍ୟନ୍ତ ୩୭୦ ଟଙ୍କା ଲେଖାଏ ମାସିକ ଅନୁଦାନ ଯୋଗାଇ ଦିଆଯିବ । ଏଥିପାଇଁ ୩ ଲକ୍ଷ ୮୦ ହଜାର ଟଙ୍କା ଖର୍ଚ୍ଚ ହେବ ବୋଲି ଜଣାଯାଇଛି ।












Click it and Unblock the Notifications