5T ସ୍କୁଲ ରୂପାନ୍ତରଣରର ଦ୍ବିତୀୟ ପର୍ଯ୍ୟାୟରେ ରୂପାନ୍ତରିତ ହେଲା ୨୯୦୮ଟି ସ୍କୁଲ
ଆଜିଠାରୁ ରାଜ୍ୟରେ ଆରମ୍ଭ ହେଲା ଦ୍ବିତୀୟ ପର୍ଯ୍ୟାୟ ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ। ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୧୦୭୦ଟି ହାଇସ୍କୁଲର ରୂପାନ୍ତର ହୋଇଥିବା ବେଳେ ଦ୍ବିତୀୟ ପର୍ଯ୍ୟାୟରେ ୨୯୦୮ଟି ହାଇସ୍କୁଲର ରୂପାନ୍ତର ହୋଇଛି
ଭୁବନେଶ୍ୱର: ଆଜିଠାରୁ ରାଜ୍ୟରେ ଆରମ୍ଭ ହେଲା ଦ୍ବିତୀୟ ପର୍ଯ୍ୟାୟ ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ। ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୧୦୭୦ଟି ହାଇସ୍କୁଲର ରୂପାନ୍ତର ହୋଇଥିବା ବେଳେ ଦ୍ବିତୀୟ ପର୍ଯ୍ୟାୟରେ ୨୯୦୮ଟି ହାଇସ୍କୁଲର ରୂପାନ୍ତର ହୋଇଛି । ଆଜି ରାଜ୍ୟର ୫ଟି ଜିଲ୍ଲା - ଖୋର୍ଦ୍ଧା, ବୌଦ, ମାଲକାନଗିରି, ସୋନପୁର ଓ ମୟୁରଭଞ୍ଜର ରେକର୍ଡ ୫୩୨ଟି ରୂପାନ୍ତରିତ ସ୍କୁଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିଛନ୍ତି ।

ଏହି ଅବସରରେ ପିଲାମାନଙ୍କୁ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପ୍ରତ୍ୟେକ ପିଲା ସ୍ବତନ୍ତ୍ର ଏବଂ ତା ଭିତରେ ଭରି ରହିଛି ବିପୁଳ ସମ୍ଭାବନା । ପିଲାଙ୍କ ଆଖିରେ ଥାଏ ସୁନ୍ଦର ଭବିଷ୍ୟତର ସ୍ବପ୍ନ। ଜୀବନରେ କିଛି ବଡ କରିବାର ସ୍ବପ୍ନ । ସ୍କୁଲ ରୂପାନ୍ତର ପିଲାମାନଙ୍କ ଏ ସ୍ବପ୍ନରେ ଡେଣା ଯୋଡିପାରିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହା ପିଲାମାନଙ୍କ ପାଇଁ ନୂଆ ସୁଯୋଗ ଆଣିଛି । ପିଲାମାନଙ୍କ ସ୍ବପ୍ନ ସାକାର ହେଲେ, ନୂଆ ଓଡିଶାର ଲକ୍ଷ୍ୟ ପୂରଣ ହେବ ଓ ନୂଆ ଓଡିଶା ଗଠନର ଭିତ୍ତି ସ୍ଥାପିତ ହେବ ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍କୁଲ ଆଜି ଯେଉଁ ନୂଆ ରୂପ ନେଇଛି, ତାହା ପିଲାମାନଙ୍କ ଭିତରେ ଆନନ୍ଦ ଓ ଉତ୍ସାହ ଭରି ଦେଇଛି । ଏହା ସେମାନଙ୍କ ମଧ୍ୟରେ ନୂଆ ଆଶା ଓ ସଂକଳ୍ପ ସୃଷ୍ଟି କରିଛି । ସ୍କୁଲ ସମୟ ଜୀବନର ଶ୍ରେଷ୍ଠ ସମୟ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏ ରୂପାନ୍ତର ଆମର ପିଲାମାନଙ୍କୁ ଶ୍ରେଷ୍ଠ କରି ଗଢିତୋଳିବା ପାଇଁ ସୁଯୋଗ ସୃଷ୍ଟି କରିଛି ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଶିକ୍ଷା ହିଁ ଜୀବନରେ ସବୁଠାରୁ ବଡ ରୂପାନ୍ତର ଆଣିଥାଏ। ଜୀବନର ଏ ଗୁରୁତ୍ବପୂର୍ଣ୍ଣ ସମୟକୁ ଠିକ୍ ଭାବରେ ଉପଯୋଗ କର ଏବଂ ନିଜପାଇଁ, ନିଜ ପରିବାର ପାଇଁ ଓ ପ୍ରିୟ ଓଡିଶା ପାଇଁ ନୂଆ ପରିଚୟ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ।
ପିଲାମାନଙ୍କୁ 5T ମହତ୍ତ୍ବ ବିଷୟରେ ବୁଝାଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଟେକ୍ନୋଲୋଜି, ଟିମୱାର୍କ, ଟାଇମ ବା ସମୟ ଏବଂ ଟ୍ରାନ୍ସପ୍ୟାରେନ୍ସି ବା ସ୍ବଚ୍ଛତାର ପ୍ରୟୋଗରେ ଆସେ ରୂପାନ୍ତର । ଟେକ୍ନୋଲୋଜି ଦ୍ବାରା ସେମାନଙ୍କ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍, ଇ-ଲାଇବ୍ରେରୀ, କମ୍ପୁଟର, ଆଧୁନିକ ପରୀକ୍ଷାଗାର ଆଦିର ବ୍ୟବସ୍ଥା ହେବା ସହିତ ଭଲ ପିଇବା ପାଣି ଓ ଉତ୍ତମ ପରିମଳ ବ୍ୟବସ୍ଥାର ସୁବିଧା କରାଗଲା । ସେହିପରି ଟିମ୍ୱାର୍କରେ ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ, ପୁରାତନ ଛାତ୍ର ଓ ପ୍ରଶାସନ ଆଦି ସମସ୍ତେ ମିଳିମିଶି ଏ ରୂପାନ୍ତର କାମରେ ସାମିଲ ହୋଇଛନ୍ତି । ସେହିପରି ଟାଇମ ବା ସମୟକୁ ଗୁରୁତ୍ବ ଦିଆଯାଇ ଧାର୍ଯ୍ୟ ଲକ୍ଷ୍ୟ ଅନୁସାରେ ଠିକ୍ ସମୟରେ କାର୍ଯ୍ୟ ଶେଷ ହୋଇଛି । ସେହିପରି ଟ୍ରାନ୍ସପ୍ୟାରେନ୍ସି ବା ସ୍ବଚ୍ଛତାର ପ୍ରୟୋଗ କରାଯାଇ ସବୁ କାମ ସମସ୍ତଙ୍କ ସହ ଆଲୋଚନା କରି କରାଯାଇଛି। ଭିଜନ ଡକ୍ୟୁମେଣ୍ଟ ଠାରୁ ଆରମ୍ଭ କରି କାମ ତଦାରଖ ପର୍ଯ୍ୟନ୍ତ ସମସ୍ତଙ୍କ ଜ୍ଞାତସାରରେ ସବୁ କାର୍ଯ୍ୟ ହୋଇଛି। ଏହି ସ୍ବଚ୍ଛତା ହେଉଛି 5T କାର୍ଯ୍ୟକ୍ରମର ବଡ ଶକ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ଏ ରୂପାନ୍ତର ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ସ୍କୁଲ ମ୍ୟାନେଜମେଣ୍ଟ କମିଟି, ପଞ୍ଚାୟତ ପ୍ରତିନିଧି, ପୁରାତନ ଛାତ୍ର ସଂସଦ, ଶିକ୍ଷକ ଶିକ୍ଷୟତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି । ସୂଚନାଯୋଗ୍ୟ ଯେ, ଆଜି ଗୋଟିଏ ଦିନରେ ପାଞ୍ଚ ଟି ଜିଲ୍ଲାର ରେକର୍ଡ 532ଟି ହାଇସ୍କୁଲ ଲୋକାର୍ପିତ ହେଲା । ମୟୁରଭଞ୍ଜ ରେ ସର୍ବାଧିକ 339ଟି ସୋନପୁରରେ 41ଟି ବୌଦ୍ଧରେ 24ଟି ମାଲକାନଗିରିରେ 47ଟି ଓ ଖୋର୍ଦ୍ଧାରେ 81ଟି ହାଇସ୍କୁଲ ଲୋକାର୍ପିତ ହେଲା ।












Click it and Unblock the Notifications