ଜନତାଙ୍କ ସହଯୋଗ ରେ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନାରେ ଓଡ଼ିଶା ଅତ୍ୟନ୍ତ ସଫଳ ଓ ପ୍ରଭାବୀ ବୋଲି ପୁଣି ପ୍ରମାଣିତ : ମୁଖ୍ୟମନ୍ତ୍ରୀ
ବାତ୍ୟା ୟାସର ପରବର୍ତ୍ତୀ ପୁନର୍ଗଠନ ଓ ପୁନରୁଦ୍ଧାର କାର୍ଯ୍ୟ ସଂପର୍କରେ ସମୀକ୍ଷା କରି 7 ଦିନ ମଧ୍ୟରେ ପ୍ରଭାବିତ ଜିଲ୍ଲା ଗୁଡିକରେ ଭାଙ୍ଗି ଯାଇଥିବା ଘର ଗୁଡିକ ସଂପର୍କରେ ଆକଳନ କରି ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।
ଭୁବନେଶ୍ୱର: ବାତ୍ୟା ପୁନରୁଦ୍ଧାର ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ । ସପ୍ତାହକ ମଧ୍ୟରେ ଘରଭଙ୍ଗା କ୍ଷୟକ୍ଷତି ଆକଳନ କରି ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ସିଏସ ନବୀନ । ଆଜି ସଂଧ୍ୟାରେ ଭିଡିଓ କନ୍ଫରେନ୍ସିଂ ଜରିଆରେ ବାତ୍ୟା ୟାସ୍ ର ପରବର୍ତ୍ତୀ ପୁନର୍ଗଠନ ଓ ପୁନରୁଦ୍ଧାର କାର୍ଯ୍ୟ ସଂପର୍କରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ।
ଏହି ବୈଠକରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବର୍ତ୍ତମାନ ରିଲିଫ, ପୁନର୍ଗଠନ ଓ ପୁନରୁଦ୍ଧାର ପ୍ରକ୍ରିୟା ଉପରେ ସମସ୍ତ ଧ୍ୟାନ କେନ୍ଦ୍ରୀତ କରିବାକୁ ପଡିବ । କ୍ଷତିଗ୍ରସ୍ତ ଜଳମଗ୍ନ ଅଞ୍ଚଳରେ 7 ଦିନ ପାଇଁ ରିଲିଫ ଘୋଷଣା କରାଯାଇଛି ବୋଲି ପ୍ରକାଶ କରି ସମସ୍ତ ମରାମତି ଓ ପୁନରୁଦ୍ଧାର କାର୍ଯ୍ୟକୁ ଯୁଦ୍ଧକାଳୀନ ଭିତ୍ତିରେ ଜାରି ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ପାନୀୟ ଜଳ ଓ ବିଦ୍ୟୁତ ଯୋଗାଣ ପ୍ରକ୍ରିୟା ଖୁବଶୀଘ୍ର ସ୍ବାଭାବିକ କରିବା ପାଇଁ ପରାମର୍ଶ ଦେଇ ଆଜି ସଂଧ୍ୟା ସୁଦ୍ଧା ସମସ୍ତ ମୁଖ୍ୟ ସଡକ ଗୁଡିକ ଯାନବାହାନ ଚଳାଚଳ ପାଇଁ ଅବରୋଧମୁକ୍ତ ହେବ ବୋଲି ସେ ଆଶାପ୍ରକାଶ କରିଥିଲେ ।

ସେହିପରି ବୈତରଣୀ ନଦୀର ତଳ ଅଞ୍ଚଳରେ ବନ୍ୟା ଆସିବାର ସମ୍ଭାବନା ଥିବାରୁ ପ୍ରଶାସନ ସତର୍କ ଦୃଷ୍ଟି ରଖିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି । ବାତ୍ୟା ୟାସର ପରିଚାଳନାରେ ଉଲ୍ଲେଖନୀୟ ସଫଳତା ପାଇଁ ପ୍ରଶାସନିକ ଅଧିକାରୀମାନଙ୍କୁ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସମସ୍ତ ବିଷୟକୁ ଦୃଷ୍ଟିରେ ରଖି ବିଧିବଦ୍ଧ ଯୋଜନା ଏବଂ ତ୍ରୁଟିଶୂନ୍ୟ ପରିଚାଳନା ଯୋଗୁ ବାତ୍ୟା ୟାସର ସଫଳ ମୁକାବିଲା କରାଯାଇପାରିଛି । ସେ କହିଥିଲେ ଯେ ଜନସାଧାରଣଙ୍କ ସହଯୋଗରେ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନାରେ ଓଡ଼ିଶା ଅତ୍ୟନ୍ତ ସଫଳ ଓ ପ୍ରଭାବୀ ବୋଲି ପୁଣି ଥରେ ପ୍ରମାଣିତ କରିପାରିଛି ।
ବାତ୍ୟା ପ୍ରଭାବିତ ଜିଲ୍ଲାଗୁଡିକର ସମସ୍ତ ଜନସାଧାରଣ, ନାଗରିକ ସଂଗଠନ ମାନଙ୍କୁ ରିଲିଫ ଓ ସ୍ଥାନାନ୍ତର କାର୍ଯ୍ୟରେ ସେମାନଙ୍କ ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଥିଲେ । କେନ୍ଦ୍ର ସରକାର ଏବଂ ବିଭିନ୍ନ କେନ୍ଦ୍ରୀୟ ସଂସ୍ଥା ଯଥା NDRF, IMD ଓ ଅନ୍ୟାନ୍ୟ କେନ୍ଦ୍ରୀୟ ସଂସ୍ଥାକୁ ସେମାନଙ୍କ ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଥିଲେ । ପରିଶେଷରେ ମୁଖ୍ୟମନ୍ତ୍ରୀ ପୁନରୁଦ୍ଧାର ଓ ପୁନର୍ବାସ କାର୍ଯ୍ୟରେ ଏହିଭଳି ଦକ୍ଷତାର ସହ କାର୍ଯ୍ୟ ଜାରି ରଖିବାକୁ ପରାମର୍ଶ ଦେଇଥିଲେ ।
ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ହେଲିକପ୍ଟର ଯୋଗେ ଆକାଶମାର୍ଗରୁ ବାତ୍ୟା କ୍ଷୟକ୍ଷତି ଆକଳନ କରିଥିଲେ । ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ ଭଦ୍ରକ ଓ ବାଲେଶ୍ବର ଜିଲ୍ଲା ସର୍ବାଧିକ ପ୍ରଭାବିତ ହୋଇଛି । ବିଦ୍ୟୁତ ଯୋଗାଯୋଗ ପ୍ରକ୍ରିୟା 75 ରୁ 80 ପ୍ରତିଶତ ସ୍ବାଭାବିକ ହୋଇଛି ବୋଲି ପ୍ରକାଶ କରି ସେ କହିଲେ ଯେ ଜଳମଗ୍ନ ଅଞ୍ଚଳ ବ୍ୟତୀତ ଅନ୍ୟ ସମସ୍ତ ସ୍ଥାନରେ ବିଦ୍ୟୁତ ଯୋଗାଯୋଗ ସ୍ବଭାବିକ ହୋଇଛି । ପାନୀୟ ଜଳ ପାଇଁ ଡିଜି ସେଟ୍, ଟ୍ୟାଙ୍କର ଜରିଆରେ ବ୍ୟବସ୍ଥା କରାଯାଉଛି ବୋଲି ସେ ସୂଚନା ଦେଇଥିଲେ ।
ସ୍ବତନ୍ତ୍ର ରିଲିଫ କମିଶନର ପି.କେ. ଜେନା ଏକ ଉପସ୍ଥାପନା ରଖି କରିଥିଲେ ଯେ ଲୋକଙ୍କ ସୁରକ୍ଷା ପାଇଁ 12ଟି ଜିଲ୍ଲାର 7 ଲକ୍ଷ 10 ହଜାର ଲୋକଙ୍କୁ ସ୍ଥାନାନ୍ତର କରାଯାଇ 8410ଟି ଆଶ୍ରୟ ସ୍ଥଳରେ ରଖାଯାଇଥିଲା । ସେ ଆହୁରି କହିଥିଲେ ଯେ 200ଟି ବ୍ଲକ୍ରେ ପ୍ରବଳ ବର୍ଷା ହୋଇଥିଲା । ମୟୁରଭଂଜର କୁସୁମୀ ବ୍ଲକ୍ରେ 515 ମି.ମି ବର୍ଷା ହୋଇଥିବାର ସେ ସୂଚନା ଦେଇଥିଲେ । ସୁବର୍ଣ୍ଣରେଖା ଓ ବୁଢାବଳଙ୍ଗ ନଦୀରେ ବନ୍ୟାଜଳ ବଢୁଥିବା ସତ୍ତ୍ବେ ବନ୍ୟା ଆଶଂକା କମ୍ ବୋଲି ପ୍ରକାଶ କରି କହିଥିଲେ ଯେ ବୈତରଣୀ ନଦୀର ନିମ୍ନାଞ୍ଚଳରେ ବନ୍ୟାର ସମ୍ଭାବନା ରହିଛି ଓ ସେଥିପ୍ରତି ସତର୍କ ଦୃଷ୍ଟି ରଖାଯାଇଛି ।
ଶକ୍ତି ବିଭାଗ ପକ୍ଷରୁ ସୂଚନା ଦିଆଯାଇ କୁହାଯାଇଥିଲା ଯେ ସମସ୍ତ 33 ଓ 11 କେଭି ଫିଡର ମରାମତି ପ୍ରକ୍ରିୟା ଜାରି ରହିଛି ଏବଂ ଏହା ଖୁବ୍ ଶୀଘ୍ର ଶେଷ ହେବ । 30 ଲକ୍ଷ ପ୍ରଭାବିତ ଉପଭୋକ୍ତାଙ୍କ ମଧ୍ୟରୁ ଆଜି ସଂଧ୍ୟା ସୁଦ୍ଧା 23 ଲକ୍ଷ ଉପଭୋକ୍ତାଙ୍କୁ ବିଜୁଳି ଯୋଗାଯୋଗ ସ୍ବଭାବିକ କରାଯିବ ।
ସେହିପରି ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା ଯେ ସମୁଦାୟ 62ଟି ବ୍ଲକ ପ୍ରଭାବିତ ହୋଇଛି । ସବୁ ପାଇପ ଜଳ ପ୍ରକଳ୍ପ କାର୍ଯ୍ୟକାରୀ କରାଯାଇଛି ବୋଲି ସୂଚନା ଦିଆଯାଇଥିଲା । 571 ଟି ପାଇପ ଜଳ ପ୍ରକଳ୍ପକୁ ଜେନ୍ସେଟ୍ ଜରିଆରେ କାର୍ଯ୍ୟକାରୀ କରାଯାଉଛି ଏବଂ 346ଟି ଟ୍ୟାଙ୍କର ଜରିଆରେ ଜଳମଗ୍ନ ସ୍ଥାନକୁ ପାନୀୟ ଜଳ ଯୋଗାଇ ଦିଆଯାଉଛି । ବାଲେଶ୍ବର ଓ ଭଦ୍ରକ ଜିଲ୍ଲାକୁ ଅତିରିକ୍ତ ଟ୍ୟାଙ୍କର ପଠାଯାଇଛି । ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା ଯେ ସମସ୍ତ ପୌରାଞ୍ଚଳରେ ପାନୀୟ ଜଳ ଯୋଗାଣ ପ୍ରକ୍ରିୟା ସ୍ବଭାବିକ କରାଯାଇଛି ।
ଜଳସଂପଦ ବିଭାଗର ସୂଚନା ଅନୁଯାୟୀ କେନ୍ଦ୍ରାପଡା, ବାଲେଶ୍ବର ଓ ଭଦ୍ରକ ଅଂଚଳରେ କେତେକ ସ୍ଥାନରେ ଘାଇ ସୃଷ୍ଟି ହୋଇଛି ଏବଂ ଜଳମଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘାଇର ଆକଳନ କରାଯାଉଛି ଏବଂ ବିଭିନ୍ନ ସ୍ଥାନରେ ମରାମତି କାର୍ଯ୍ୟ ଚାଲିଛି । ମହିଳା ଓ ଶିଶୁବିକାଶ ବିଭାଗର ସୂଚନା ଅନୁଯାୟୀ 4500 ଗର୍ଭବତୀ ମହିଳାଙ୍କୁ ଚିହ୍ନଟ କରାଯାଇଥିଲା । ସେଥିମଧ୍ୟରୁ 2100ଙ୍କୁ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଥିଲା । ବାତ୍ୟା ସମୟରେ 750 ନବଜାତ ଶିଶୁ ଜନ୍ମ ହୋଇଛନ୍ତି ।
ସେହିପରି ପୂର୍ତ୍ତ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା ଯେ ସମସ୍ତ କୋଭିଡ ହସ୍ପିଟାଲରେ ଭିତ୍ତିଭୂମି ଠିକ୍ ରହିଛି । ଆଜି ସଂଧ୍ୟା ସୁଦ୍ଧା ଗଛ ପଡି ଅବରୋଧ ହୋଇଥିବା ସମସ୍ତ ସଡକ ଗୁଡିକ ଆବରୋଧମୁକ୍ତ କରାଯିବ । ସେହିପରି ଗ୍ରାମ ଉନ୍ନୟନ ବିଭାଗର 350ଟି ସଡକ ଅବରୋଧ ହୋଇଥିବା ବେଳେ ଏହିସବୁ ଗୁଡିକ ଆଜି ସଂଧ୍ୟା ସୁଦ୍ଧା ଅବରୋଧମୁକ୍ତ ହେବ ।
ବୈଠକରେ ବାଲେଶ୍ବର, ଭଦ୍ରକ, ମୟୁରଭଂଜ ଓ କେନ୍ଦ୍ରାପଡା ଜିଲ୍ଲାର ଜିଲ୍ଲାପାଳମାନେ ଜିଲ୍ଲାରେ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟକ୍ରମ ଗୁଡିକର ସୂଚନା ଦେଇଥିଲେ। ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନର କାର୍ଯ୍ୟକୁ ପ୍ରଶଂସା କରି ଏହିଭଳି କାର୍ଯ୍ୟ ଜାରି ରଖିବାକୁ ପରାମର୍ଶ ଦେଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (5-ଟି) ଶ୍ରୀ ଭି.କେ. ପାଣ୍ଡିଆନ ବୈଠକ ସଂଯୋଜନା କରିଥିଲେ । ସଂପୃକ୍ତ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ।












Click it and Unblock the Notifications