ଚଳିତ ବର୍ଷର ଦ୍ୱାଦଶ ଶ୍ରେଣୀ ପରୀକ୍ଷା ବାତିଲ କଲେ ରାଜ୍ୟ ସରକାର
ଯୁକ୍ତ ଦୁଇ ବୋର୍ଡ ପରୀକ୍ଷା ବାତିଲ କଲେ ରାଜ୍ୟ ସରକାର । ରାଜ୍ୟରେ କରୋନା ମହାମାରୀର ଦ୍ୱିତୀୟ ଲହରକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି ।
ଭୁବନେଶ୍ୱର : ଯୁକ୍ତ ଦୁଇ ବୋର୍ଡ ପରୀକ୍ଷା ବାତିଲ କଲେ ରାଜ୍ୟ ସରକାର । ରାଜ୍ୟରେ କରୋନା ମହାମାରୀର ଦ୍ୱିତୀୟ ଲହରକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି । ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ସମସ୍ତଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଚଳିତ ବର୍ଷର ବାର୍ଷିକ ଦ୍ବାଦଶ ଶ୍ରେଣୀ ପରୀକ୍ଷାକୁ ବାତିଲ କରାଗଲା ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଜୀବନ ଆଗ, ଆଉସବୁ ପଛ । ଜୀବନ ସୁରକ୍ଷିତ ରହିଲେ ଆଗକୁ ଅନନ୍ତ ସମ୍ଭାବନା ରହିବ ଏବଂ ସମାଜ ଓ ସଭ୍ୟତା ଆଗକୁ ବଢିବ ।

ମୁଖ୍ୟମନ୍ତ୍ରୀ କହିଛନ୍ତି, ଆମ ଦେଶ ଓ ଜାତିର ଭବିଷ୍ୟତ, ଆମ ପିଲାମନଙ୍କର ସ୍ୱାସ୍ଥ୍ୟ ସୁରକ୍ଷା ପରୀକ୍ଷା ଠାରୁ ବହୁ ଅଧିକ ଗୁରୁତ୍ବପୂର୍ଣ୍ଣ । ପରୀକ୍ଷା କରାଯାଇଥିଲେ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ ଓ ଅଭିଭାବକ ମାନେ ବହୁ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତେ । ତେଣୁ ଛାତ୍ର ସମାଜର ବୃହତ୍ତର ସ୍ବାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପରୀକ୍ଷା ବାତିଲ ସଂକ୍ରାନ୍ତୀୟ ଏହି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ।
ଦ୍ବାଦଶ ଶ୍ରେଣୀରେ ଛାତ୍ରଛାତ୍ରୀଙ୍କ ଦକ୍ଷତାର ମୂଲ୍ୟାୟନ ବିଶେଷଜ୍ଞ ମାନଙ୍କ ପରାମର୍ଶକ୍ରମେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱରା ଉତ୍ତମ ଭାବରେ ନିର୍ଦ୍ଧାରିତ ମାପଦଣ୍ଡ ( Well Defined Objective Criteria ) ଦ୍ୱାରା ନିର୍ଦ୍ଧିଷ୍ଟ ସମୟସୀମା ମଧ୍ୟରେ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହି ମୂଲ୍ୟାୟନରେ ଯଦି କୌଣସି ଛାତ୍ରଛାତ୍ରୀ ସନ୍ତୁଷ୍ଟ ନ ହୁଅନ୍ତି, ତେବେ ସେମାନେ ଚାହିଁଲେ ପରୀକ୍ଷା ଦେଇପାରିବେ ଏବଂ ପରିସ୍ଥିତିର ସମୀକ୍ଷା କରି ପରୀକ୍ଷା କେତେବେଳେ କରାଯିବ ତାହା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ନିର୍ଣ୍ଣୟ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।












Click it and Unblock the Notifications