ଆଜି ହେବ ଶ୍ରୀଜିଉଙ୍କ ବନକଲାଗି ନୀତି
ଆଜି ହେବ ଶ୍ରୀଜିଉଙ୍କ ବନକଲାଗି ନୀତି । ଗୁରୁବାର ନୁହେଁ, ଆଜି ହେବ ଶ୍ରୀଜିଉଙ୍କ ବନକଲାଗି ନୀତି । ଆଜି ବୁଧବାର ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି କରିବାକୁ ଦତ୍ତମହାପାତ୍ର ନିଯୋଗକୁ ପୁଣି ଥରେ ନର୍ଦ୍ଦେଶ ଦେଇଛି ଶ୍ରୀମନ୍ଦିର ପ୍ରଶାସନ।
ତେବେ ଏହା ପୂର୍ବରୁ ଆସନ୍ତା ଗୁରୁବାର ବନକଲାଗି କରାଯିବ ବୋଲି ଦତ୍ତମହାପାତ୍ର ନିଯୋଗର ସମ୍ପାଦକ ମଦନମୋହନ ଦତ୍ତ ସୂଚନା ଦେଇଥିଲେ। ଏହାର ଅବମାନନା କଲେ କଠୋର ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଏହାସହ ବିକଳ୍ପ ବ୍ୟବସ୍ଥା ଆପଣାଇବାକୁ ଶ୍ରୀମନ୍ଦିର ପ୍ରଶାସନ ବାଧ୍ୟ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି ।

ବନକଲାଗି ନୀତି କ'ଣ ଜାଣନ୍ତୁ:
ଏହି ନୀତି ପାଇଁ ଥିବା ସେବାୟତଙ୍କୁ ଦତ୍ତ ମହାପାତ୍ର କୁହାଯାଏ । ରଙ୍ଗପ୍ରସ୍ତୁତ କରିବା ଓ ବିଗ୍ରହରେ ଲଗାଇବା ଏମାନଙ୍କ କାମ। ମହାପ୍ରଭୁଙ୍କ ଲାଗି ଉର୍ଦ୍ଦିଷ୍ଟ ରଙ୍ଗଗୁଡିକ ପ୍ରସ୍ତୁତ ପାଇଁ ଭିତର ବେଢାର ଉତ୍ତର ପଟେ ଗୋଟିଏ କୋଠରୀ ରହିଛି । ଏହାକୁ ବନକଲାଗି ଘର କୁହାଯାଏ । ଶଙ୍ଖକୁ ଚୂର୍ଣ୍ଣ କରି ଧଳାରଙ୍ଗ, ହରିତାଳରୁ ହଳଦିଆ ଓ ହିଙ୍ଗୁଳରୁ କଳା ପ୍ରସ୍ତୁତ ହୁଏ । ଏସବୁ ରଙ୍ଗରେ କର୍ପୁର ଓ କସ୍ତୁରୀ ମିଶେ । କସ୍ତୁରୀ ଯୋଗୁଁ ମହାପ୍ରଭୁଙ୍କ ମୁଖମଣ୍ଡଳ ଉଜ୍ଜଳ ଓ ମସୃଣ ରହେ । ରତ୍ନସିଂହାସନ ଆଗରେ ଯେଉଁ ଭୋଗ ବଢାହୁଏ ତା'ର ଗରମବାଷ୍ପ ଯୋଗୁଁ ମୁଖମଣ୍ଡଳର ଉଜ୍ଜଳତା କମିଯାଏ । କସ୍ତୁରୀ ବ୍ୟବହାର ଯୋଗୁଁ ରଙ୍ଗ ଦୀର୍ଘସ୍ଥାୟୀ ହୁଏ ।
କେଉଁ ବାରରେ ଏହି ଗୁପ୍ତ ନୀତି ସମ୍ପନ୍ନ ହେବ ତାକୁ ନେଇ ଦୀର୍ଘଦିନ ଧରି ବିବାଦ ଚାଲିଥିବା ବେଳେ ମଙ୍ଗଳବାର ଏହାର ସମାଧାନ ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ବୈଠକ ବସିଥିଲା। ଏହି ବୈଠକରେ ଦଇତାପତି ଓ ଦତ୍ତମହାପାତ୍ର ସେବକଙ୍କ ସହ ପରିଚାଳନା କମିଟିର ସଦସ୍ୟ ମାନେ ଯୋଗ ଦେଇଥିଲେ।
ତେବେ ଗୁରୁବାର ବନକଲାଗି ନୀତି ହେବାନେଇ ଦତ୍ତମହାପାତ୍ର ଓ ଶ୍ରୀମନ୍ଦିର ପ୍ରଶାସନ ଭିତରେ ବିବାଦ ଲାଗିଥିଲା। କିନ୍ତୁ ବୈଠକ ଶେଷରେ ବୁଧବାର ଦିନ ବନକଲାଗି ନିତି ହେବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ କୁହଯାଇଛି।












Click it and Unblock the Notifications