ବିଶିଷ୍ଟ କବି ରମାକାନ୍ତ ରଥଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ବିଶିଷ୍ଟ କବି ରମାକାନ୍ତ ରଥଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ । ରମାକାନ୍ତଙ୍କ ଦେହାନ୍ତ ବିଷୟରେ ଜାଣି ଦୁଃଖିତ କହିଲେ ମୋହନ ମାଝୀ । ପ୍ରଶାସନିକ ସେବା ସହ ସାହିତ୍ୟ ଜଗତରେ ଅବଦାନ ପାଇଁ ସର୍ବଦା ସ୍ମରଣୀୟ ରହିବେ' ।ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ହେବ ଶେଷକୃତ୍ୟ ସମ୍ପନ୍ନ ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପଦ୍ମଭୂଷଣ ସ୍ବର୍ଗତ ରଥ ଭାରତୀୟ ସାହିତ୍ୟ ଜଗତର ଅଳ୍ପ କେତେଜଣ ଶ୍ରେଷ୍ଠ କବିଙ୍କ ମଧ୍ୟରେ ଥିଲେ ଅନ୍ୟତମ । ସପ୍ତମ ଋତୁ, ଶ୍ରୀରାଧା, ସଚିତ୍ର ଅନ୍ଧାର, କେତେ ଦିନର, ଦୁଆର ଏପଟୁ, ନଯା ନଯା କହୁକହୁ ପରି ଅନେକ କାଳଜୟୀ ରଚନା ତାଙ୍କୁ ସାହିତ୍ୟ ଜଗତରେ ଚିର ଦିନ ପାଇଁ ଅମରକରି ରଖିବ । ବିଭିନ୍ନ ବିଭାଗର ସଚିବ ଓ ମୁଖ୍ୟ ଶାସନ ସଚିବ ଭାବେ ମଧ୍ୟ ରାଜ୍ୟର ବିକାଶରେ ସେ ଗୁରୁତ୍ୱପୂର୍ଣ୍ଣ ଭୂମିକା ରଖିଛନ୍ତି।ଓଡ଼ିଆ ସାହିତ୍ୟକୁ ଜାତୀୟ ତଥା ଆନ୍ତର୍ଜାତୀୟ ସ୍ତରରେ ପହଞ୍ଚେଇବାରେ ତାଙ୍କ ଭୂମିକାକୁ ଅସ୍ବୀକାର କରିହେବନି। କାଳଜୟୀ କାବ୍ୟଗ୍ରନ୍ଥ ଶ୍ରୀରାଧା ପାଇଁ ସରସ୍ବତୀ ସମ୍ମାନ, ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଓ ସଚିତ୍ର ଅନ୍ଧାର ପାଇଁ ସାରଳା ପୁରସ୍କାର ହାସଲ କରିବା ସହ ସେ ପ୍ରଥିତଯଶା ଲେଖକ ରୂପେ କେନ୍ଦ୍ର ସାହିତ୍ୟ ଏକାଡେମୀର ଫେଲୋସିପ ମଧ୍ୟ ପାଇଥିଲେ।

ତାଙ୍କ ବିୟୋଗ ସାହିତ୍ୟ ଜଗତ ପାଇଁ ଅପୂରଣୀୟ କ୍ଷତି । ମୁଖ୍ୟମନ୍ତ୍ରୀ ସ୍ବର୍ଗତ ରଥଙ୍କ ଅମର ଆତ୍ମାର ସଦ୍ଗତି କାମନା କରିବା ସହିତ ସୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣେଇଛନ୍ତି। ତାଙ୍କ ପରି ମହାନ ସାହିତି୍ୟକ ଓ ଯୁଗସ୍ରଷ୍ଟାଙ୍କୁ ସଂପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସଂପନ୍ନ କରାହେବ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।












Click it and Unblock the Notifications