୫ଟି ସ୍କୁଲ ରୂପାନ୍ତରଣ: ଚତୁର୍ଥ ପର୍ଯ୍ୟାୟରେ ୩୬୧ ରୂପାନ୍ତରିତ ଉଚ୍ଚବିଦ୍ୟାଳୟର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ୫ଟି ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟର ତୃତୀୟ ଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମୟୁରଭଞ୍ଜ, ସମ୍ବଲପୁର, ନୂଆପଡା, ରାୟଗଡ ଓ ବଲାଙ୍ଗିର ଆଦି ୫ଟି ଜିଲ୍ଲାର ୩୬୧ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି । ଏଥିରେ ମୟୁରଭଞ୍ଜ ଜିଲ୍ଲାର ୧୦୫ଟି ହାଇସ୍କୁଲ, ସମ୍ବଲପୁରର ୬୩ଟି, ନୂଆପଡାର ୩୩ଟି, ରାୟଗଡର ୬୦ଟି ଓ ବଲାଙ୍ଗିର ୧୦୦ଟି ହାଇସ୍କୁଲ ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
ପୂର୍ବରୁ ତିନୋଟି ପର୍ଯ୍ୟାୟରେ ରାଜ୍ୟରେ ୬୮୮୩ଟି ସ୍କୁଲ ରୂପାନ୍ତରିତ ହୋଇଥିବାବେଳେ । ଚତୁର୍ଥ ପର୍ୟ୍ୟାୟରେ ସମୁଦାୟ ୧୭୯୪ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହେବ । ଏହି ଅବସରରେ ଛାତ୍ରଛାତ୍ରୀଙ୍କୁ ଭବିଷ୍ୟତ ଗଠନର ଗୁରୁମନ୍ତ୍ର ଦେଇଥିଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ କହିଛନ୍ତି, 'ସ୍କୁଲ ରୂପାନ୍ତର ଓଡ଼ିଶା ଜାତିର ପ୍ରଗତୀରେ ପ୍ରମୁଖ ଭୂମିକା ନେବ । ଜୀବନରେ ସଫଳ ହେବାକୁ ହେଲେ ୫ଞ ନୀତି ଗ୍ରହଣ କର । ସବୁ କ୍ଷେତ୍ରରେ ସାଧୁତା ରଖ । ସମୟର ସଦୁପଯୋଗ କଲେ ସବୁ ବେଳେ ଆଗରେ ରହିବ ।'
ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ ପିଲାଙ୍କ ଉଜ୍ଜଳ ଭବିଷ୍ୟତ ଗଠନ ପାଇଁ ଏବେ ସରକାରୀ ସ୍କୁଲ ଗୁଡିକ ଶ୍ରେଷ୍ଠ ମାଧ୍ୟମ ହୋଇଛି । ରୂପାନ୍ତରିତ ସ୍କୁଲର ସଠିକ ଉପଯୋଗ କରି ଭଲ ପାଠ ପଢି ନିଜ ପାଇଁ ଏକ ସୁନ୍ଦର ଭବିଷ୍ୟତ ଗଢିବା ପାଇଁ ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ପରାମର୍ଶ ଦେଇଥିଲେ । ଏବେ ଓଡିଶାରେ ରୂପାନ୍ତରର ଯୁଗ ଚାଲିଛି । ଶିକ୍ଷା ହିଁ ଆମ ସମାଜର ସାମୁହିକ ଚିନ୍ତାଧାରକୁ ଉଚ୍ଚସ୍ତରକୁ ନେଇଥାଏ । ସ୍କୁଲ ରୂପାନ୍ତର ଓଡିଆ ଜାତିରେ ନୂଆ ଜାଗରଣ ର ମାର୍ଗ ପ୍ରଶସ୍ତ କରିଛି ବୋଲି ସେ କହିଥିଲେ ।

ସ୍କୁଲ କଲେଜ ଠାରୁ ଆରମ୍ଭ କରି ହସ୍ପିଟାଲ, ପର୍ଯ୍ୟଟନ କ୍ଷେତ୍ର, ମଠ ମନ୍ଦିର, ପଞ୍ଚାୟତ, ଗାଁ ସବୁଠାରେ ରୂପାନ୍ତର କାର୍ଯ୍ୟ ଚାଲିଛି । ଏକ ନୂଆ ଓଡିଶା, ସଶକ୍ତ ଓଡିଶା ଗଠନ ପାଇଁ ଏହି ରୂପାନ୍ତର ରାସ୍ତା ପ୍ରସ୍ତୁତ କରୁଛି । ମୁଖ୍ୟମନ୍ତ୍ରୀ ଆହୁରି କହିଲେ ଯେ ଏସବୁ ରୂପାନ୍ତର କାର୍ଯ୍ୟକ୍ରମ ମଧ୍ୟରେ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଓ ଶ୍ରେଷ୍ଠ ହେଉଛି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ । ସ୍କୁଲରୁ ହିଁ ଗୋଟିଏ ଜାତିର ଭବିଷ୍ୟତ ନିର୍ମାଣ ହୋଇଥାଏ ।
୫ଟି ସ୍କୁଲ ରୂପାନ୍ତରଣର ଚତୁର୍ଥ ପର୍ଯ୍ୟାୟରେ ପ୍ରଥମେ ୫ଟି ଜିଲ୍ଲାର ୩୮୯ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କରିଥିଲେ ମୁଖ୍ୟମନ୍ତ୍ରୀ । ଏହାପରେ ୬ଟି ଜିଲ୍ଲାର ୩୨୭ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହୋଇଥିଲା । ଚତୁର୍ଥ ପର୍ଯ୍ୟାୟରେ ସମୁଦାୟ ୧୭୯୪ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହେବ । ସୂଚନାଯୋଗ୍ୟ ଯେ, ପୂର୍ବରୁ ତିନିଟି ପର୍ଯ୍ୟାୟରେ ରାଜ୍ୟରେ ୬୮୮୩ଟି ସ୍କୁଲ ରୂପାନ୍ତରିତ ହୋଇଛି । ଚତୁର୍ଥ ପର୍ଯ୍ୟାୟ ସଂପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୮୬୭୭ଟି ସ୍କୁଲ ରୂପାନ୍ତରିତ ହେବ ।












Click it and Unblock the Notifications