କେନ୍ଦୁଝରକୁ ମୁଖ୍ୟମନ୍ତ୍ରୀଙ୍କ ୪୭୦୩ କୋଟିର ଭେଟି: ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ, SHG ମହିଳାଙ୍କୁ ବିନା ସୁଧରେ ଋଣ
ଦିନିକିଆ କେନ୍ଦୁଝର ଗସ୍ତରେ ଆସି ଜିଲ୍ଲାର ବିକାଶମୂଳକ କାମ ପାଇଁ ବଡ ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୪୭୦୩କୋଟି ମୂଲ୍ୟର ୨୫୯ଟି ପ୍ରକଳ୍ପର ଶୁଭାରମ୍ଭ ଓ ଭିତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ।
କେନ୍ଦୁଝର: ଦିନିକିଆ କେନ୍ଦୁଝର ଗସ୍ତରେ ଆସି ଜିଲ୍ଲାର ବିକାଶମୂଳକ କାମ ପାଇଁ ବଡ ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୪୭୦୩କୋଟି ମୂଲ୍ୟର ୨୫୯ଟି ପ୍ରକଳ୍ପର ଶୁଭାରମ୍ଭ ଓ ଭିତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ୧୪୩୭୨ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀକୁ ବିନା ସୁଧରେ ୩୭୮ କୋଟି ଟଙ୍କାର ଋଣ ସହାୟତା ପ୍ରଦାନ କରିଛନ୍ତି । ଏହାଦ୍ୱାରା ୧ଲକ୍ଷ ୫୮ ହଜାର ୬୫୫ ଜଣ ମହିଳା ସ୍ୱାବଲମ୍ବୀ ହେବା ଦିଗରେ ଆଗକୁ ବଢିବେ ।

ସେହିପରି ନବନିର୍ମିତ ଧରଣୀଧର ମେଡିକାଲ କଲେଜ ଓ ହସ୍ପିଟାଲର ଲୋକାର୍ପଣ କରିଛନ୍ତି । ହଜାର ହଜାର ଛାତ୍ରଛାତ୍ରୀ ଓ ଜନସାଧାରଣଙ୍କ ଆନନ୍ଦ ଉଲ୍ଲାସ ମଧ୍ୟରେ ମୁଖ୍ୟମନ୍ତ୍ରୀ ଏହା ଉଦ୍ଘାଟନ କରିଛନ୍ତି । ୨୦୧୬ ମସିହାରେ ମେଡିକାଲ କଲେଜର ଶିଳାନ୍ୟାସ କରିଥିଲେ ମୁଖ୍ୟମନ୍ତ୍ରୀ । ୩୮୧ କୋଟି ଟଙ୍କା ବ୍ୟୟରେ ନିର୍ମିତ ଧରଣୀଧର କଲେଜରେ ୨୫ଟି ବ୍ଲକ ଓ ୧୮ଟି କୋଠା ନିର୍ମାଣ କରାଯାଇଛି ।
ସବୁ ଜୀବନ ମୋ ପାଇଁ ମୂଲ୍ୟବାନ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟର ସ୍ବାସ୍ଥ୍ୟସେବାର ବିକାଶ କରାଯାଉଛି । ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସାରା ରାଜ୍ୟରେ ୮ ଲକ୍ଷ ୩୦ ହଜାର ୭୭୩ ଲୋକ ଉପକୃତ ହୋଇଥିବା ବେଳେ ଏଥିପାଇଁ ୧୮୨୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରାଯାଇଛି । କେବଳ କେନ୍ଦୁଝରରେ ୨୪ ହଜାର ଲୋକ ଉପକାର ପାଇଛନ୍ତି ଏବଂ ୪୭ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରାଯାଇଛି ବୋଲି ସେ କହିଥିଲେ।
ସେହିପରି ମୁଖ୍ୟମନ୍ତ୍ରୀ କହିଛନ୍ତି, ମିଶନ ଶକ୍ତିର ମା ମାନେ ରାଜ୍ୟର ସୁନାମ ବୃଦ୍ଧି କରିଛନ୍ତି । ସେମାନଙ୍କୁ ଉଦ୍ୟୋଗୀ କରିବା ମୋର ଲକ୍ଷ୍ୟ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ ଯେ ଏହି ଅର୍ଥରେ ସେମାନେ ଭଲ ବିଜିନେସ୍ କରି ନିଜର, ନିଜ ପରିବାରର ଓ ନିଜ ଅଞ୍ଚଳର ଆର୍ଥିକ ବିକାଶରେ ଗୁରୁତ୍ବପୂର୍ଣ୍ଣ ଅବଦାନ ରଖିବେ ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଚାଷୀ, ମହିଳା ଓ ଯୁବସମାଜ ଆମ ରାଜ୍ୟର ତ୍ରିଶକ୍ତି । ଏମାନେ ହିଁ ଆମ ରାଜ୍ୟର ପ୍ରଗତୀର ସାରଥୀ ଏବଂ ଏକ ବିକଶିତ ଓଡିଶାର ସ୍ବପ୍ନକୁ ପୂରଣ କରିବାରେ ଏହି ତ୍ରିଶକ୍ତି ହିଁ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ କହିଥିଲେ । ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ନୂଆ ମେଡିକାଲ କଲେଜର ଅଡିଟୋରିଅମରେ ଛାତ୍ରଛାତ୍ରୀ ମାନଙ୍କ ସହ ଭାବ ଆଦାନପ୍ରଦାନ କରିଥିଲେ ।
ଏହି କାର୍ଯ୍ୟକ୍ରମରେ ଅର୍ଥ ତଥା ସ୍ବାସ୍ଥ୍ୟମନ୍ତ୍ରୀ ନିରଞ୍ଚନ ପୂଜାରୀ, କେନ୍ଦୁଝର ସାଂସଦ ଚନ୍ଦ୍ରାଣୀ ମୁର୍ମୁ, ଘଷିପୁରା ବିଧାୟକବଦ୍ରୀ ନାରାୟଣ ପାତ୍ର, କେନ୍ଦୁଝର ବିଧାୟକ ମୋହନ ଚରଣ ମାଝୀ, ଆନନ୍ଦପୁର ବିଧାୟକଭାଗିରଥୀ ସେଠୀ ଓ ତେଲକୋଇ ବିଧାୟକ ପ୍ରେମାନନ୍ଦ ନାଏକ, ଚମ୍ପୁଆ ବିଧାୟକ ମିନାକ୍ଷୀ ମହନ୍ତ, କେନ୍ଦୁଝର ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ଜଗନ୍ନାଥ ନାୟକ, ଜିଲ୍ଲାପରିଷଦ ଅଧ୍ୟକ୍ଷା ସାଗରିକା ସାହୁ ପ୍ରମୁଖ ଯୋଗ ଦେଇ ନିଜ ନିଜର ଅଭିଭାଷଣ ରଖିଥିଲେ ।












Click it and Unblock the Notifications