ସଂକ୍ରମଣ ହାର ଅଧିକ ଥିବା ଜିଲ୍ଲାରେ କୋଭିଡ ନିୟମକୁ କଡାକଡି ପାଳନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ମୁଖ୍ୟମନ୍ତ୍ରୀ ମୁଖ୍ୟତଃ ଅଧିକ ସଂକ୍ରମଣ ହାର ଥିବା ଜିଲ୍ଲା ଉପରେ ଫୋକସ କରିବା ସହିତ କୋଭିଡ ନିୟମର କଡାକଡି ଅନୁପାଳନ ଉପରେ ଗୁରୁତ୍ବ ଆରୋପ କରିଛନ୍ତି ।
ଭୁବନେଶ୍ବର: ରାଜ୍ୟରେ କୋଭିଡ ସ୍ଥିତି ସଂପର୍କରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସମୀକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀ ମୁଖ୍ୟତଃ ଅଧିକ ସଂକ୍ରମଣ ହାର ଥିବା ଜିଲ୍ଲା ଉପରେ ଫୋକସ କରିବା ସହିତ କୋଭିଡ ନିୟମର କଡାକଡି ଅନୁପାଳନ ଉପରେ ଗୁରୁତ୍ବ ଆରୋପ କରିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟରେ ସଂକ୍ରମଣ ହାର ୫ ପ୍ରତିଶତ ଥିଲେ ମଧ୍ୟ ଅଳ୍ପ କେତେକ ଜିଲ୍ଲାରେ ଉଚ୍ଚ ସଂକ୍ରମଣ ହାରକୁ ଦୃଷ୍ଟିରେ ରଖି ସତର୍କତା ଅବଲମ୍ବନ କରିବା ଉଚିତ୍ । ଏହାସହିତ ଘରକୁ ଘର ବୁଲି ଚାଲିଥିବା ସର୍ଭେ କାର୍ଯ୍ୟକ୍ରମ ଦ୍ବାରା କୋଭିଡ ତଥା ଅନ୍ୟନ୍ୟ ରୋଗୀ ମାନଙ୍କର ଚିହ୍ନଟ ଏବଂ ତୁରନ୍ତ ଚିକିତ୍ସା ବ୍ୟବସ୍ଥା କରାଯାଇପାରୁଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରି ଏହାକୁ ଆହୁରି ଗୁରୁତର ସହ କାର୍ଯ୍ୟକାରୀ କରିବା ପାଇଁ ପରାମର୍ଶ ଦେଇଥିଲେ ।
ତୃତୀୟ ଲହରରେ ପ୍ରସ୍ତୁତି ସ୍ବରୂପ ଶିଶୁ ରୋଗ ଚିକିତ୍ସା ପାଇଁ ସମସ୍ତ ବ୍ୟବସ୍ଥା ତଥା ଡାକ୍ତରମାନଙ୍କର ଏ ସଂପର୍କିତ ତାଲିମକୁ ପ୍ରାଥମିକତା ଦେଇ ସଂପୂର୍ଣ୍ଣ ପ୍ରସ୍ତୁତ ରହିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ସେହିପରି ବିଭିନ୍ନ ଡାକ୍ତରଖାନା ମାନଙ୍କରେ ଅକ୍ସିଜେନ ପ୍ଲାଣ୍ଟ ଯେପରି ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ କାର୍ଯ୍ୟକ୍ଷମ ହୋଇପାରିବ, ତାହା ସୁନିଶ୍ଚିତ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଥିଲେ ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଶୀଘ୍ର ଟିକାକରଣ ଆଗାମୀ କିଛି ମାସ ପାଇଁ ଆମର ମୁଖ୍ୟ ଫୋକସ ହୋଇରହିବ। ବର୍ତ୍ତମାନ ଆମେ ଦୈନିକ ୩ ଲକ୍ଷ ଲୋକଙ୍କୁ ଟିକା ଦେଉଛୁ ବୋଲି ପ୍ରକାଶ କରି ଟିକା କେନ୍ଦ୍ର ମାନଙ୍କରେ ବିଭିନ୍ନ ସୁବିଧାର ବିକାଶ ପାଇଁ ଜିଲ୍ଲାପାଳ ମାନେ ବ୍ୟକ୍ତିଗତ ଭାବେ ଦୃଷ୍ଟି ଦେବା ପାଇଁ ସେ ପରାମର୍ଶ ଦେଇଥିଲେ । କୋଭିଡ ନିୟମ ସଂପର୍କରେ ଲୋକମାନଙ୍କୁ ବାରମ୍ବାର ସଚେତନ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେବା ସହ ମାସ୍କ ପିନ୍ଧିବା, ହାତ ଧୋଇବା ଓ ସାମାଜିକ ଦୂରତା ରକ୍ଷା କରିବା, ଭିଡ ନ ଯିବା ଆଦି କୋଭିଡ ନିୟମକୁ କଡାକଡି ଭାବରେ ପାଳନ କରିବାକୁ ଜନସାଧାରଣଙ୍କୁ ପରାମର୍ଶ ଦେଇଥିଲେ ।












Click it and Unblock the Notifications