ମେକ୍ ଇନ୍ ଓଡିଶାରେ ମୁଖ୍ୟମନ୍ତ୍ରୀ, ମିଶନ ଶକ୍ତି ଜିଲ୍ଲା ଫେଡେରେସନ ପାଇଁ ଘୋଷଣା କଲେ ଏକ କୋଟି ଟଙ୍କାର ରିଭଲ୍ଭିଂ ପାଣ୍ଠି
: ମେକ୍ ଇନ୍ ଓଡିଶା କନକ୍ଲେଭରେ ଆଜି ମହିଳା ଉଦ୍ୟୋଗୀ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ଭୁବନେଶ୍ବର: ମେକ୍ ଇନ୍ ଓଡିଶା କନକ୍ଲେଭରେ ଆଜି ମହିଳା ଉଦ୍ୟୋଗୀ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, 2001ରେ ଆରମ୍ଭ ହୋଇଥିବା ମିଶନ ଶକ୍ତି ଆଜି ଓଡ଼ିଶାର 70 ଲକ୍ଷ ସଶକ୍ତ ମାମାନଙ୍କର ଏକ ମହାଶକ୍ତି ହୋଇଛି । ମୋ ସରକାର ପାଇଁ ମହିଳା ସଶକ୍ତିକରଣ କେବଳ ଏକ ସ୍ଲୋଗାନ୍ ନୁହେଁ । ଏହା ଏକ ପବିତ୍ର ଦାୟିତ୍ଵ । ମୋର ଦୃଢ ବିଶ୍ବାସ ମାମାନଙ୍କୁ ସଶକ୍ତ ନ କରି କୌଣସି ପରିବାର କୌଣସି ସାମାଜ, କୌଣସି ରାଜ୍ୟ ବା କୌଣସି ଦେଶ ଆଗକୁ ବଢ଼ି ପାରିବ ନାହିଁ ।

ଓଡ଼ିଶାରେ ଆମର 6ଲକ୍ଷ ସ୍ବୟଂ ସହାୟକ ଗୋଷ୍ଠି କାମ କରୁଛନ୍ତି । SHGମାନଙ୍କୁ SMEରେ ରୂପାନ୍ତର କରିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ । ଏଥିପାଇଁ ଆମେ ସବୁ କିଛି କରିବାକୁ ପ୍ରସ୍ତୁତ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ମିଶନ ଶକ୍ତି ମା ମାନଙ୍କୁ ବିନା ସୁଧରେ ପାଞ୍ଚ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଦେବା ସଂକ୍ରାନ୍ତୀୟ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଦ୍ଵାରା ଓଡିଶାର ଲକ୍ଷ ଲକ୍ଷ ମା ଉପକାର ପାଇବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପାଞ୍ଚ ବର୍ଷରେ ପାଞ୍ଚ ହଜାର କୋଟି ଟଙ୍କାର କାମ ମା ମାନଙ୍କୁ ଦେବା ପାଇଁ ଓଡିଶା କ୍ୟାବିନେଟ ନିଷ୍ପତ୍ତି ନେଇଥିଲା ଓ ଏହାଦ୍ଵାରା ପ୍ରାୟ ଏକ ଲକ୍ଷ SHG ଉପକାର ପାଉଛନ୍ତି ।ମିଶନ ଶକ୍ତି ଫେଡେରେସନମାନଙ୍କୁ ଆହୁରି ମଜବୁତ କରିବା ଓ ସେମାନଙ୍କୁ ସକ୍ରିୟ ଆର୍ଥିକ କେନ୍ଦ୍ରରେ ପରିଣତ କରିବା ଆମର ଲକ୍ଷ୍ୟ ବୋଲି ଉଲ୍ଲେଖ କରି ପ୍ରତି ଜିଲ୍ଲା ଫେଡେରେସନକୁ ଏକ କୋଟି ଟଙ୍କାର ରିଭଲ୍ଭିଂ ପାଣ୍ଠି ପ୍ରତି ବ୍ଲକ ସ୍ତରରେ ଫେଡେରେସନକୁ ପଚାଶ ଲକ୍ଷ ଟଙ୍କାର ରିଭଲ୍ଭିଂ ପାଣ୍ଠି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।
ସେହିପରି ପଞ୍ଚାୟତ ସ୍ତରରେ ଥିବା ଫେଡେରେସନ ପାଇଁ ମାର୍କେଟ କମପ୍ଲେକ୍ସ ସହ ସ୍ଵତନ୍ତ୍ର ଅଫିସ ଘର ମଧ୍ଯ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ମହିଳା ମାନଙ୍କୁ ଉଦ୍ୟୋଗୀ କରିବା ଲକ୍ଷ୍ୟକୁ ସାକାର କରିବା ପାଇଁ ତିରିଶ ଯାକ ଜିଲ୍ଲାରେ ମାଇକ୍ରୋ, ମିନି ଶିଳ୍ପ ପାର୍କ କରାଯିବ ବୋଲି ମଧ୍ଯ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ଓଡିଶାର ରୂପାନ୍ତରଣରେ ମା ମାନଙ୍କର ବଡ ଭୂମିକା ରହିଛି ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ ମା ମାନଙ୍କର ସାମଗ୍ରିକ ସଶକ୍ତିକରଣ ପାଇଁ ପ୍ରତିଶ୍ରୁତିବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ମିଶନ ଶକ୍ତି ବିଭାଗର ଏକ କଫି ଟେବୁଲ ବୁକ ଉନ୍ମୋଚନ କରିଥିଲେ ଏବଂ କଟକ ମା ତାରେଣୀ ଏସଏଚଜିର କବିତା ସାହୁ, ସୁନ୍ଦରଗଡ଼ ଦିବ୍ୟଜ୍ୟୋତି ଏସଏଚଜିର ପ୍ରେମା ଦାସ ଓ ନୂଆପଡା ବନଦୁର୍ଗା ଏସଏଚଜିର ଗାୟତ୍ରୀ ସୁନାଇଙ୍କୁ ସମ୍ମାନିତ କରିଥିଲେ ।
ସେହିପରି ଏସଏଚଜି ମାନଙ୍କୁ ରୁଣ ଦେବା ରେ ଭଲ କାମ କରିଥିବା ଓଡିଶା ଗ୍ରାମ୍ୟ ବ୍ୟାଙ୍କ, ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ଓ ୟୁକୋ ବ୍ୟାଙ୍କକୁ ସମ୍ବର୍ଦ୍ଧିତ କରିଥିଲେ । କାର୍ଯ୍ୟକ୍ରମରେ ମିଶନ ଶକ୍ତି ବିଭାଗ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ ତାଙ୍କ ଉଦବୋଧନରେ ମା ମାନଙ୍କ ବିକାଶ ପାଇଁ ନିଆ ଯାଇଥିବା ପଦକ୍ଷେପ ଉପରେ ଆଲୋକପାତ କରିଥିଲେ । ମିଶନ ଶକ୍ତି ସଚିବ ସୁଜାତା କାର୍ତ୍ତିକେୟ ସ୍ଵାଗତ ଭାଷଣ ଦେଇଥିଲେ । ବିଭାଗୀୟ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ ।












Click it and Unblock the Notifications