ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୧୩ଟି ଜିଲ୍ଲାରେ ୧୯ଟି ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ (Instream Storage Structure) ପାଇଁ ଭିତ୍ତି ସ୍ଥାପନ କରିଛନ୍ତି। ଏଥିପାଇଁ ୪,୬୦୦ କୋଟି ଟଙ୍କା ଖର୍ଚ୍ଚ ହେବ । ଏହି ଅବସରରେ ବିଭିନ୍ନ ସ୍ଥାନରେ ଆୟୋଜିତ କାର୍ଯ୍ୟକ୍ରମରେ ଲୋକମାନଙ୍କର ପ୍ରବଳ ଉତ୍ସାହ ଦେଖିବାକୁ ମିଳିଥିଲା। କେନ୍ଦ୍ରାପଡାରେ ୧୫ ହଜାର ରୁ ଅଧିକ ଚାଷୀ ଉପସ୍ଥିତ ଥିଲେ । ସେମାନଙ୍କ ମଧ୍ୟରୁ ପ୍ରାୟ ୧୦ ହଜାର ଥିଲେ ମହିଳା।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆମର ଏହି ପ୍ରକଳ୍ପ ଦ୍ୱାରା ଚାଷୀ ଭାଇଭଉଣୀମାନେ ବହୁଳ ଭାବେ ଉପକୃତ ହେବେ। ବିଶେଷ କରି ପିଇବା ପାଣି ଯୋଗାଣ କ୍ଷେତ୍ରରେ ସୁବିଧା ହେବ। ଏହା ସହିତ ମାଛ ଚାଷ, ପଶୁପାଳନ ଆଦିରେ ମଧ୍ୟ ସହାୟକ ହେବ। ଏହି ପ୍ରକଳ୍ପ ସବୁ ଭୂତଳ ଜଳ ସ୍ତର ବୃଦ୍ଧି କରି ପରିବେଶକୁ ସନ୍ତୁଳିତ କରିବ। ଆମର ନିରନ୍ତର ବିକାଶ ପାଇଁ ଏପରି ପ୍ରକଳ୍ପ ଖୁବ୍‌ ଗୁରୁତ୍ୱପୂର୍ଣ୍ଣ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହା ସହିତ ବନ୍ୟା ନିୟନ୍ତ୍ରଣରେ ମଧ୍ୟ ଏହି ପ୍ରକଳ୍ପଗୁଡିକ ସହାୟକ ହେବ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୨୦୨୦ରେ ଅନ୍ତଃ ନଦୀ ଜଳାଶୟ (Instream Storage) ପାଇଁ ୧୧ ହଜାର ୭୦୦ କୋଟି ଟଙ୍କାରେ ଯୋଜନା ଆରମ୍ଭ ହୋଇଥିଲା। ବର୍ତ୍ତମାନ ସୁଦ୍ଧା ୩ଟି ପର୍ଯ୍ୟାୟରେ ୭୨ଟି ପ୍ରକଳ୍ପ ପାଇଁ କାର୍ଯ୍ୟକ୍ରମ ପ୍ରସ୍ତୁତ କରାଯାଇଛି। ଆଜି ୧୩ଟି ଜିଲ୍ଲା- ବରଗଡ, ବଲାଙ୍ଗିର, ବୌଦ୍ଧ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଳାହାଣ୍ଡି, କେନ୍ଦୁଝର, ଖୋର୍ଦ୍ଧା, ପୁରୀ, ସମ୍ବଲପୁର, ସୁବର୍ଣ୍ଣପୁର ଓ ସୁନ୍ଦରଗଡ ଜିଲ୍ଲାରେ ୧୯ଟି ପ୍ରକଳ୍ପର ଭିତ୍ତି ପ୍ରସ୍ତର ରଖାଗଲା।

naveen pattnaik

ଏଥି ସହିତ ସେ ଆହୁରି ମଧ୍ୟ କହିଥିଲେ ଯେ ଆମର ସବୁ କାର୍ଯ୍ୟକ୍ରମ ଲୋକମତ ଓ ଜନ ସହଭାଗିତା ଭିତ୍ତିରେ କରାଯାଉଛି। ତାଙ୍କ ନିର୍ଦ୍ଦେଶରେ 5T ଅଧ୍ୟକ୍ଷ ବିଭିନ୍ନ ଜିଲ୍ଲାକୁ ଗସ୍ତ କରିବା ସମୟରେ ଲୋକଙ୍କ ଠାରୁ ଏପରି ପ୍ରକଳ୍ପ ପାଇଁ ପ୍ରସ୍ତାବ ଆସିଥିଲା। ଲୋକଙ୍କ ପ୍ରସ୍ତାବକୁ ଗ୍ରହଣ କରାଯାଇ ଏହି ସବୁ ପ୍ରକଳ୍ପ କାର୍ଯ୍ୟକାରୀ କରାଯାଉଛି।

ସେ ପୁଣି କହିଥିଲେ ଯେ 5T ଉପକ୍ରମରେ ଏହି ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ କାର୍ଯ୍ୟ ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ। ଏହି ପ୍ରକଳ୍ପଗୁଡିକର ନିର୍ମାଣ କ୍ଷେତ୍ରରେ ବୈଷୟିକ ଜ୍ଞାନ କୌଶଳର ପ୍ରୟୋଗ ସହିତ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ କାର୍ଯ୍ୟ ସମ୍ପନ୍ନ କରିବା ପାଇଁ ଗୁରୁତ୍ୱ ଦିଆଯାଇଛି। ଏହି ପ୍ରକଳ୍ପ ଦ୍ୱାରା କୌଣସି ଲୋକ ବିସ୍ଥାପିତ ହେବେ ନାହିଁ।

ରାଜ୍ୟରେ ଚାଷୀମାନଙ୍କର କଲ୍ୟାଣାର୍ଥେ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ପ୍ରକଳ୍ପ ଚାଷୀର ବିକାଶ ଓ ପରିବେଶର ସୁରକ୍ଷା ପାଇଁ ଉଦ୍ଦିଷ୍ଟ। ଆମର କାଳିଆ ଯୋଜନା, କୃଷକମାନଙ୍କ ପାଇଁ ବିନା ସୁଧରେ ଋଣ ସୁବିଧା, ଶସ୍ୟ ବୀମା ପ୍ରିମିୟମ ପ୍ରଦାନ ଇତ୍ୟାଦି କାର୍ଯ୍ୟକ୍ରମ ରାଜ୍ୟରେ ଚାଷୀମାନଙ୍କର ଆତ୍ମବିଶ୍ୱାସକୁ ବୃଦ୍ଧି କରିଛି। ଚାଷୀର ଉନ୍ନତି ହେଲେ ରାଜ୍ୟର ଉନ୍ନତି ହେବ। ସେମାନଙ୍କ ଉନ୍ନତି ପାଇଁ ଆମେ କାମ କରୁଛୁ ଓ ଆଗାମୀ ଦିନରେ କାମ କରି ଚାଲିବୁ ସେ କହିଥିଲେ।

କାର୍ଯ୍ୟକ୍ରମରେ ଯୋଗ ଦେଇ ବଲାଙ୍ଗୀରରେ ଉପସ୍ଥିତ ଜଳ ସମ୍ପଦ ମନ୍ତ୍ରୀ ଟୁକୁନି ସାହୁ କହିଥିଲେ ଯେ, ଚାଷୀମାନଙ୍କର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୃଢ ସଂକଳ୍ପ ରହିଛି। ଖରାଦିନେ ଯେପରି ପାଣି ପାଇବେ ସେଥିପାଇଁ ମୁଖ୍ୟମନ୍ତ୍ରୀ ଏହି ପ୍ରକଳ୍ପ ଆରମ୍ଭ କରିଛନ୍ତି। କେନ୍ଦ୍ରାପଡ଼ା ମହାକାଳପଡାଠାରେ ଉପସ୍ଥିତ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ କହିଲେ ଯେ କେନ୍ଦ୍ରାପଡାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ସବୁବେଳେ ଗୁରୁତ୍ୱ ଦେଇ ଆସିଛନ୍ତି। କେବଳ ଏହି ପ୍ରକଳ୍ପ ନୁହେଁ, କେନ୍ଦ୍ରାପଡାରେ ଅନେକ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି। ଆର୍ସେଲର୍ ମିତ୍ତଲ ପ୍ରକଳ୍ପ ପାଇଁ ସେ ମୁଖ୍ୟମନ୍ତ୍ରୀ ଓ 5T ଅଧ୍ୟକ୍ଷଙ୍କୁ ଧନ୍ୟବାଦ ଦେଇଥିଲେ।

5T ଅଧ୍ୟକ୍ଷ ଶ୍ରୀ ଭି କେ ପାଣ୍ଡିଆନ କହିଲେ ଯେ ମୁଖ୍ୟମନ୍ତ୍ରୀ ରାଜ୍ୟର ସବୁ ସ୍ଥାନର ଉନ୍ନତି ପାଇଁ ପ୍ରକଳ୍ପ କରୁଛନ୍ତି। କେନ୍ଦ୍ରାପଡାର ସବୁ ବିକାଶ କାର୍ଯ୍ୟକ୍ରମରେ ଲୋକଙ୍କ ଭରପୁର ସହଯୋଗ ମିଳୁଛି ବୋଲି ପ୍ରକାଶ କରି ସେ କେନ୍ଦ୍ରାପଡାବାସୀଙ୍କୁ ଧନ୍ୟବାଦ ଦେଇଥିଲେ। କେନ୍ଦ୍ରାପଡାରେ ଆର୍ସେଲର୍ ମିତ୍ତଲ ନିପନ୍ ଷ୍ଟିଲ ପ୍ରକଳ୍ପ ପାଇଁ ଜାପାନ ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଖୁବ୍ ଉଦ୍ୟମ କରିଥିଲେ ବୋଲି ପ୍ରକାଶ କରି ସେ କହିଲେ ଲୋକଙ୍କ ସହଯୋଗରେ ମୁଖ୍ୟମନ୍ତ୍ରୀ ଖୁବ୍ ଶୀଘ୍ର ଏଥିପାଇଁ ଶୁଭ ଦେବେ।

ବଉଦ କଣ୍ଟାମାଳ ରେ ଉପସ୍ଥିତ ବିଧାୟକ ମହିଧର ରଣା ମଧ୍ୟ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ। କାର୍ଯ୍ୟକ୍ରମରେ ଉପସ୍ଥିତ ତିନି ଜଣ ଚାଷୀ ସେମାନଙ୍କ ମତାମତ ଦେଇଥିଲେ। କେସିଙ୍ଗାରେ ପାନାଲାଲ ବେମାଲ, ଆଖୁଆପଦାରେ ଶରତ ଚନ୍ଦ୍ର ଜେନା ଓ ବୀରମହାରାଜପୁରରେ ବିବଶ୍ୱତି ପଣ୍ଡା ପ୍ରମୁଖ ମତ ଦେଇ କହିଲେ ଯେ ଏହି ପ୍ରକଳ୍ପ ଦ୍ୱାରା ଆମ ଭଳି ଚାଷୀ ମାନଙ୍କର ମରୁଡି ସମସ୍ୟା ଦୂର ହେବ । ଆମେ ବିଭିନ୍ନ ପ୍ରକାର ଚାଷ କରିପାରିବୁ ଓ ପିଇବା ପାଣିର ସମସ୍ୟା ମଧ୍ୟ ରହିବ ନାହିଁ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଥିଲେ।

ଉନ୍ନୟନ କମିଶନର ତଥା ଜଳ ସମ୍ପଦ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ଅନୁ ଗର୍ଗ ସ୍ଵାଗତ ଭାଷଣ ଦେଇଥିଲେ। ବିଭାଗୀୟ EIC ଧନ୍ୟବାଦ୍ ଦେଇଥିଲେ। ଜଳ ସମ୍ପଦ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+