ଦିନ ୧୧ଟା ରୁ ୫ଟା ଏବଂ ରାତି ୯ଟାରୁ ସକାଳ ୬ଟା ପର୍ଯ୍ୟନ୍ତ ବିଦ୍ୟୁତ୍ କାଟ୍ ନ କରିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
ଦିନ ୧୧ଟା ରୁ ୫ଟା ଏବଂ ରାତି ୯ଟାରୁ ସକାଳ ୬ଟା ପର୍ଯ୍ୟନ୍ତ ବିଦ୍ୟୁତ୍ କାଟ୍ ନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ତେବେ ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ନିଆଯାଇଥିବା ପ୍ରସ୍ତୁତି ସଂପର୍କରେ ସମୀକ୍ଷା କରିଛନ୍ତି ।

ବୈଠକରେ ସମସ୍ତ ଜିଲ୍ଲାପାଳ ଓ ଉପସ୍ଥିତ ବିଭିନ୍ନ ବିଭାଗର ସଚିବ ସ୍ତରୀୟ ଅଧିକାରୀ ମାନଙ୍କୁ ମୁଖ୍ୟମନ୍ତ୍ରୀ କହିଛନ୍ତି , ଚଳିତ ବର୍ଷ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ବଢିବ ସହିତ ଅନେକ ଜିଲ୍ଲାରେ ତାପମାତ୍ରା ମଧ୍ୟ ବଢୁଛି । ପାଣିପାଗ ବିଭାଗର ଆକଳନ ଅନୁଯାୟୀ ଆଗାମୀ ଦିନରେ ତାପମାତ୍ରା କମିବାର ଆଶା କରାଯାଉଥିଲେ ମଧ୍ୟ ଆମକୁ ସତର୍କତା ଅବଲମ୍ବନ କରିବାକୁ ପଡିବ । ସରକାରୀ ସ୍ତରରେ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ଯାହା SOPଜାରି କରାଯାଇଛି, ତାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ମାନେ କାର୍ଯ୍ୟ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ଆବଶ୍ୟକସ୍ଥଳେ SOP ବାହାରେ ମଧ୍ୟ କାମ କରିବା ପାଇଁ ଜିଲ୍ଲାପାଳ ମାନଙ୍କୁ ପରାମର୍ଶ ଦେଇଛନ୍ତି।
ଜିରୋ କାଜୁଆଲ୍ଟି ଲକ୍ଷ୍ୟ ରଖି ସମସ୍ତେ କାର୍ଯ୍ୟ କରିବା ପାଇଁ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଥିଲେ।
ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ଅଂଶୁଘାତର ମୁକାବିଲା ପାଇଁ ଛାଇ ଓ ପାଣି ଗୁରୁତ୍ବପୂର୍ଣ୍ଣ । ସହରାଞ୍ଚଳରେ ଟ୍ରାଫିକ ଛକ ଏବଂ ଗ୍ରାମାଞ୍ଚଳରେ ବସ୍ଷ୍ଟାଣ୍ଡ ଗୁଡିକରେ ଛାଇ ପାଇଁ ଟେଣ୍ଟ ବ୍ୟବସ୍ଥା ଓ ଜଳଛତ୍ର ବ୍ୟବସ୍ଥା କରିବା ପାଇଁ ସମସ୍ତେ ଯତ୍ନବାନ ହେବା ପାଇଁ ସେ ପରାମର୍ଶ ଦେଇଥିଲେ । ବିଗତ ଦିନରେ ସଚେତନତାମୂଳକ ପ୍ରଚାର ପ୍ରସାର ଜରିଆରେ ଆମେ ସଫଳତା ପାଇଛୁ। ତେଣୁ ଅଂଶୁଘାତରୁ ରକ୍ଷା ପାଇବା ପାଇଁ ଟିଭି, ରେଡିଓ, ଖବରକାଗଜ ଓ ସାମାଜିକ ଗଣମାଧ୍ୟମ ଜରିଆରେ ବ୍ୟାପକ ପ୍ରଚାର ପ୍ରସାର ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ।
ସେହିପରି ରାଜ୍ୟର ସମସ୍ତ ସ୍କୁଲଗୁଡିକୁ ଯଥାଶୀଘ୍ର ସକାଳୁଆ କରିବା ପାଇଁ ତୁରନ୍ତ sopଜାରି କରିବା ପାଇଁ ମୁଖ୍ୟମନ୍ତ୍ରୀ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ । ଏଥିସହିତ ଅଙ୍ଗନବାଡି କେନ୍ଦ୍ରଗୁଡିକ ସମୟ ପରିବର୍ତ୍ତନ କରି ସକାଳ ୭ଟା ରୁ ୯ଟା ମଧ୍ୟରେ ରଖିବା ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ ।












Click it and Unblock the Notifications