ଆସନ୍ତା ୧୦ ରେ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସମ୍ଭାବନା, ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା
ଆସନ୍ତା ୧୦ତାରିଖ ବେଳକୁ ଉତ୍ତର-ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ସମ୍ଭାବ୍ୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ କି ନାହିଁ ତାହା ଏପର୍ଯ୍ୟନ୍ତ ପାଣିପାଗ ବିଭାଗ ସ୍ପଷ୍ଟ କରିନାହିଁ।

ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ, ଉତ୍ତର ଉପକୂଳ ଓଡ଼ିଶା, ଆଭ୍ୟନ୍ତରୀଣ ଓଡ଼ିଶା, ତେଲଙ୍ଗାନା ଏବଂ ଦକ୍ଷିଣ ଛତିଶଗଡ଼ରେ ଏକ ନିମ୍ନଚାପରେଖା ସକ୍ରିୟ ରହିଛି। ଉତ୍ତର-ପୂର୍ବ ଝାଡ଼ଖଣ୍ଡ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ଅଛି। ଏହାର ପ୍ରଭାବରେ ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷାର ସମ୍ଭାବନା ରହିଛି। ଆଜି ରାଜ୍ୟର ବିଭିନ୍ନ ଅଞ୍ଚଳରେ ବଜ୍ରପାତ ସହିତ ବର୍ଷା ହୋଇଛି। ଚାନ୍ଦବାଲିରେ ୩୬ମି.ମି. ବର୍ଷା ହୋଇଥିବାବେଳେ କେନ୍ଦୁଝର ୭, ଟିଟିଲାଗଡ଼ ୪, ନୟାଗଡ଼ରେ ୫ ମି.ମି. ବର୍ଷା ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲାକୁ ବଜ୍ରପାତ ସହିତ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି।












Click it and Unblock the Notifications