ବିଷ୍ଣୁପଦଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲେ ମୋହନ ସରକାର, ୩ଟି ଯାକ ଗୁରୁତ୍ୱପୂର୍ଣ୍ଣ ବିଭାଗର ସଚିବ ପଦରୁ ହେଲେ ବିଦା
ଟେଣ୍ଡର ଫିକ୍ସିଂ ମାମଲାରେ ସିବିଆଇ ସହ ଲୁଚକାଳି ଖେଳୁଥିବା ବରିଷ୍ଠ ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ମୋହନ ସରକାର । ଆଜି ତାଙ୍କୁ ୩ଟି ଯାକ ଗୁରୁତ୍ୱପୂର୍ଣ୍ଣ ବିଭାଗର ସଚିବ ପଦରୁ ହଟାଇ ଦେଇଛନ୍ତି । ତାଙ୍କୁ ସାଧାରଣ ପ୍ରଶାସନ ବିଭାଗର ଓଏସଡି(ଅଫିସର ଅନ୍ ସ୍ପେଶାଲ ଡ୍ୟୁଟି) ଭାବେ ପନିସମେଂଟରେ ପଠାଇ ଦିଆଯାଇଛି ।

ଆଜି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ୧୯୯୫ ବ୍ୟାଚ୍ ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କୁ ରାଜ୍ୟ ଅନୁସୂଚିତ ଜାତି,ଜନଜାତି ବିଭାଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ, ଓଡ଼ିଆ ଭାଷାସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ସଚିବ ପଦରୁ ହଟାଇ ଦିଆଯାଇଛି । ତାଙ୍କ ସ୍ଥାନରେ ୧୯୯୭ ବ୍ୟାଚ୍ ଆଇଏଏସ୍ ସଞ୍ଜିବ କୁମାର ମିଶ୍ରଙ୍କୁ ଦାୟିତ୍ୱ ନ୍ୟସ୍ତ କରାଯାଇଛି । ଶ୍ରୀ ମିଶ୍ରଙ୍କୁ ଅନୁସୂଚିତ ଜାତି ଓ ଜନଜାତି ବିଭାଗର ପ୍ରମୁଖ ସଚିବ ଭାବେ ଅବସ୍ଥାପିତି କରାଯାଇଥିବାବେଳେ ସେ ଅତିରିକ୍ତ ଭାବେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ସହ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ସଚିବ ଭାବେ ଦାୟିତ୍ୱ ଦିଆଯାଇଛି । ଶ୍ରୀ ମିଶ୍ର ନିକଟରେ କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିଲେ ।
ସେହିପରି ଆନ୍ତଃକ୍ୟାଡ଼ର ଡେପୁଟେସନରେ ଆସିଥିବା ୨୦୦୬ ବ୍ୟାଚ୍ ଆଇଏଏସ୍ ମନୋଜ କୁମାର ସାହୁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭାବେ ଅବସ୍ଥାପିତ କରାଯାଇଛି । ଶ୍ରୀ ସାହୁଙ୍କୁ ରାଜ୍ୟ ସରକାରଙ୍କ ଅନୁରୋଧରେ କେନ୍ଦ୍ର ସରକାର ଓଡ଼ିଶା ପଠାଇଛନ୍ତି ।
ଉଲ୍ଲେଖଯୋଗ୍ୟ, ଲାଂଚ କାରବାର ଓ ଟେଣ୍ଡର ଫିକ୍ସିଂ ମାମଲାରେ ସିବିଆଇ ଗତ ୧୦ତାରିଖରୁ ବିଷ୍ଣୁପଦ ସେଠୀଙ୍କୁ ହାଜର ପାଇଁ ନୋଟିସ୍ ଦେଇଥିଲେ ମଧ୍ୟ ସେ ତାହାକୁ ଏଡ଼ାଇ ଚାଲିଛନ୍ତି । ସିବିଆଇ ସହ ବିଷ୍ଣୁପଦ ଲୁଚକାଳି ଖେଳୁଥିବାବେଳେ ରାଜ୍ୟ ସରକାରଙ୍କ ଭୂମିକାକୁ ନେଇ ସନ୍ଦେହ ସୃଷ୍ଟି ହୋଇଥିଲା । ଗଣମାଧ୍ୟମରେ ଚର୍ଚ୍ଚା ପରେ ସରକାର ବିଷ୍ଣୁପଦଙ୍କ ଉପରେ ଆକ୍ସନ ନେଇଛନ୍ତି । ତାଙ୍କୁ ଆଜି ସବୁ ବିଭାଗର ହଟାଇ ସାଧାରଣ ପ୍ରଶାସନ ବିଭାଗର ଓଏସଡି ଭାବେ ଅବସ୍ଥାପିତ କରିଛନ୍ତି । ବିଷ୍ଣୁପଦଙ୍କୁ ମଧ୍ୟ ପୂର୍ବରୁ ଏଭଳି ପନିସମେଂଟ ଭୋଗିବାକୁ ପଡ଼ିଥିଲା । ୨୦୨୩ ମସିହାରେ ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ସଚିବ ଥିବାବେଳେ ବିଷ୍ଣୁପଦଙ୍କ ବିରୁଦ୍ଧରେ ଏଭଳି ଦୁର୍ନୀତି ଅଭିଯୋଗ ଆସିବା ପରେ ତତକାଳୀନ ସରକାର ତାଙ୍କୁ ସାଧାରଣ ପ୍ରଶାସନ ବିଭାଗର ଓଏସଡି ଭାବେ ପନିସମେଂଟରେ ପଠାଇ ଦେଇଥିଲେ । ୨୦୨୩ ଜୁନ୍ ମାସରୁ ଅକ୍ଟୋବର ମାସ ପର୍ଯ୍ୟନ୍ତ ସେ ସାଧାରଣ ପ୍ରଶାସନ ବିଭାଗର ଓଏସଡି ଭାବେ ବିନା କାମରେ ଦରମା ନେଉଥିଲେ ।












Click it and Unblock the Notifications