ରାଜ୍ୟରେ ଅସହ୍ୟ ଗୁଳୁଗୁଳି ଓ ଗରମ ସହ କାଳବୈଶାଖୀ ବର୍ଷା; ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ରାଜ୍ୟରେ ଅସହ୍ୟ ଗୁଳୁଗୁଳି ଓ ଗରମ ସହ କାଳବୈଶାଖୀ ବର୍ଷା ଲାଗି ରହିଛି । ଏଭଳି ସ୍ଥିତି ଆହୁରି ୫ଦିନ ଯାଏ ଜାରି ରହିବ । ଆଜି ଦକ୍ଷିଣ ଓଡିଶା, ଉତ୍ତର ଉପକୂଳ ଓଡ଼ିଶା ସହ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି।
ବିଜୁଳି, ଘଡ଼ଘଡ଼ି ସହ ୪୦ରୁ ୫୦ କିମି ବେଗରେ ପବନ ପାଇଁ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ବିଜୁଳି, ଘଡ଼ଘଡ଼ି ସହ ୩୦ରୁ ୪୦ କିମି ବେଗରେ ପବନ ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଗରମ ଓ ଗୁଳୁଗୁଳି ପାଇଁ ୫ ଜିଲ୍ଲା ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୩ଟି ଜିଲ୍ଲାରେ ୪୦ ଡିଗ୍ରୀ ରୁ ଅଧିକ ତାପମାତ୍ରା ରହିଥିବାବେଳେ ୪୦.୬ ଡିଗ୍ରୀ ସହ ସମ୍ବଲପୁର ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି । ୨୩ରୁ ତାପମାତ୍ରା କମିବ ।
ରାଜ୍ୟରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଅନୁମାନ କରାଯାଇଛି। ଆସନ୍ତା ୨୩ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ଏକ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ।
ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ସୋମବାର ୧୫ ଜିଲାକୁ ବଜ୍ରପାତ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ସୁନ୍ଦରଗଡ, ଝାରସୁଗୁଡା, କେନ୍ଦୁଝରଗଡ଼, ମୟୂରଭଞ୍ଜ, ବାଲେଶ୍ୱର, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, ବଲାଙ୍ଗିର ଏବଂ ନୂଆପଡା ଜିଲା ପାଇଁ ଏହି ସତର୍କ ସୂଚନା ଜାରି କରାଯାଇଛି। ଏଠାରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବା ସମ୍ଭାବନା ରହଥିବା କହିଛଇ ପାଣିବାଗ ବିଭାଗ।
ସେହିପରି ୨୦ ତାରିଖ ପାଇଁ ୯ଟି ଜିଲା ଯଥାକ୍ରମେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ଗଜପତି ଓ ଗଞ୍ଜାମ ଜିଲାରେ ବର୍ଷା ଓ ଘଡ଼ଘଡି ସହିତ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ୨୧ ତାରିଖ ପାଇଁ ୧୬ଟି ଜିଲାକୁ ବିଜୁଳି ଓ ଘଡଘଡି ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି।
୨୨, ୨୩ ତାରିଖରେ ମଧ୍ୟ ଦକ୍ଷିଣ ଓଡ଼ିଶା, ଉତ୍ତର ଓଡ଼ିଶା ସହ ରାଜ୍ୟର ଅନ୍ୟାନ୍ୟ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଅନ୍ୟପଟେ ପୁରୀ, ଖୋର୍ଦ୍ଧା, ନୟାଗଡ, କଟକ, ଜଗତସିଂହପୁର ଓ ଗଞ୍ଜାମ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଖରାସହ କୋହଲା ପାଗ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।












Click it and Unblock the Notifications