ପାଣିପାଗ ଖବର: ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର; ଏଥର ଆହୁରି ବର୍ଷିବ
ଉତ୍ତର ବଙ୍ଗୋପସାଗରରେ ଗତକାଲି ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ତେବେ ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଗାଙ୍ଗେଟିକ୍ ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡକୁ ଲାଗି ଲଘୁଚାପ ଏହି କ୍ଷେତ୍ର ସୃଷ୍ଟି ହୋଇଛି । ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗକୁ ଗତି କରି ୨୪ ଘଣ୍ଟାରେ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।
ଶୁକ୍ରବାର ସୁନ୍ଦରଗଡ଼, ଅନୁଗୋଳ, ଦେବଗଡ଼,କେନ୍ଦୁଝର ଓ ମୟୂରଭଞ୍ଜ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯିବା ସହ ସମ୍ପୃକ୍ତ ୫ ଜିଲା ପାଇଁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି।

ସେହିପରି ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, ସୋନପୁର, ବୌଦ୍ଧ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଟକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଜଗତ୍ସିଂହପୁର, ବାଲେଶ୍ବରରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ଶନିବାର ୬ ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହି ଜିଲାଗୁଡ଼ିକ ମଧ୍ୟରେ ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୁନ୍ଦରଗଡ଼, ଦେବଗଡ଼ ଏବଂ କେନ୍ଦୁଝର ଆଦି ରହିଛି।
ମିଳିଥିବା ସୂଚନା ଅନୁଯାୟୀ, ଗତ ଜୁନ୍ ପହିଲାରୁ ଗତକାଲି ପର୍ଯ୍ୟନ୍ତ ରାଜ୍ୟରେ ୫୦୭ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ତେବେ ସ୍ୱାଭାବିକ ବର୍ଷା ତୁଳନାରେ ଏହା ୧୦ ପ୍ରତିଶତ କମ୍ । ମାଲକାନଗିରି ଜିଲାରେ ସବୁଠାରୁ ଅଧିକ ହଜାରେ ୬୧ ଦଶମିକ ୧ ମିଲିମିଟର ବର୍ଷା ହୋଇଛି । କୋରାପୁଟ, ନୂଆପଡା ଏବଂ ବୌଦ୍ଧ ଜିଲ୍ଲାରେ ମଧ୍ୟ ଅଧିକ ବର୍ଷା ରେକର୍ଡ କରାଯାଇଛି । ୧୫ଟି ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଥିବାବେଳେ ୧୧ଟି ଜିଲାରେ ନିଅଣ୍ଟିଆ ବର୍ଷା ହୋଇଥିବା ଜଣାପଡିଛି ।
ସକ୍ରିୟ ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ର୍ପୂବାନୁମାନ କରାଯାଇଛି । ପ୍ରବଳ ବର୍ଷା ନେଇ କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲା ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।












Click it and Unblock the Notifications