ଆଜି ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି, ୧୧ରୁ ବଢ଼ିବ ବର୍ଷାର ପରିମାଣ
ଭୁବନେଶ୍ବର: ରାଜ୍ୟରେ କେତେକ ସ୍ଥାନରେ ଜାରି ରହିଛି ମୌସୁମୀ ଜନିତ ବର୍ଷା । ରବିବାର ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ ଓ କେନ୍ଦୁଝର ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇଯାଇଛି ।
ଆଜି ରାଜ୍ୟର ୮ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଜିଠୁ ଆସନ୍ତାକାଲି ସକାଳ ଯାଏଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବରଗଡ଼ ଓ ଦେବଗଡ଼ ଆଦି ଜିଲ୍ଲାର କେତେକାଂଶରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଅନ୍ୟପଟେ ୧୧ ତାରିଖ ଦିନ ବର୍ଷାର ବିସ୍ତୃତି ବଢ଼ିବ। କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ କନ୍ଧମାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।
ପାଣିପାଗ କେନ୍ଦ୍ରର ସୂଚନା ମୁତାବକ ଚଳିତ ମୌସୁମୀ ଋତୁରେ ଜୁନ ୧ରୁ ଜୁଲାଇ ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ସ୍ୱାଭାବିକ ଠାରୁ ୨୫ ପ୍ରତିଶତ କମ୍ ବର୍ଷା ହୋଇଛି । ୧ ଜୁନ୍ରୁ ଆଜି ୯ ଜୁଲାଇ ମଧ୍ୟରେ ୨୨୦.୭ ମିମି ବର୍ଷା ରେକର୍ଡ କରାଯାଇଛି । ଯାହାକି ସ୍ବାଭାବିକ ବର୍ଷା ୨୯୫ ମିମି ତୁଳନାରେ ୨୫% କମ୍ ।
ତେବେ କଳାହାଣ୍ଡିରେ ସବୁଠାରୁ କମ୍ ବର୍ଷା ହୋଇଛି । ଏଠାରେ ସ୍ୱାଭାବିକ ଠାରୁ ୬୫ ପ୍ରତିଶତ କମ ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଦେବଗଡରେ ସବୁଠୁ ଅଧିକ ବର୍ଷା ହେଉଛି । ସ୍ୱାଭାବିକ ଠାରୁ ୫୦ ପ୍ରତିଶତ ଅଧିକ ବର୍ଷା ରେକର୍ଡ କରାଯାଇଛି । ଅନ୍ୟପଟେ ରାଜ୍ୟର ୧୬ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଥିଲା ବେଳେ ୧୧ ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଛି ।












Click it and Unblock the Notifications