୨୪ ଘଣ୍ଟାରେ ୧୯ ଜିଲ୍ଲାରେ ଝଡ଼ବର୍ଷା, ୟେଲୋ ୱାର୍ଣ୍ଣିଂ ଜାରି
ଉତ୍ତର ଆଣ୍ଡାମାନ ସାଗର ଏବଂ ତତ୍ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଉପକୂଳ ଓଡିଶାର ଜିଲ୍ଲାଗୁଡ଼ିକର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା/ ବଜ୍ରପାତର ସମ୍ଭାବନା ରହିଛି ।
ଭୁବନେଶ୍ବର: ଉତ୍ତର ଆଣ୍ଡାମାନ ସାଗର ଏବଂ ତତ୍ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଉପକୂଳ ଓଡିଶାର ଜିଲ୍ଲାଗୁଡ଼ିକର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା/ ବଜ୍ରପାତର ସମ୍ଭାବନା ରହିଛି । କିଛି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ମଧ୍ୟ ସମ୍ଭାବନା ରହିଛି ।

ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ୧୪ ଅକ୍ଟୋବର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ୧୯ଟି ଜିଲ୍ଲାକୁ ଝଡ଼ବର୍ଷାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡିକ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ, ଅନୁଗୁଳ, କନ୍ଧମାଳ, ରାୟଗଡ଼ା, ମାଲକାନାଗିରି ଓ କୋରପୁଟ ପ୍ରଭୃତି ଜିଲ୍ଲା ରହିଛି । ଏହି ଜିଲ୍ଲା ଗୁଡିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୧୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଟ୍ଵିନ୍ ସିଟି ଭୁବନେଶ୍ୱର ଓ କଟକରେ ମଧ୍ୟ ବଜ୍ରପାତ ସହ ହାଲୁକା ବର୍ଷାର ସମ୍ଭାବନା ରହିଛି । ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳର ଆକାଶ ମେଘାଛନ୍ନ ରହିବା ସହ ଅସରାଏ ଦୁଇଅସରା ବର୍ଷା ସହ କାଳବୈଶାଖୀର ସମ୍ଭାବନା ରହିଛି । ସେହିପରି କଟକ ଓ ଏହାର ଆଖପାଖ ଅଞ୍ଚଳର ଆକାଶ ମେଘାଛନ୍ନ ରହିବା ସହ ବିଜୁଳି, ଘଡ଼ଘଡ଼ି ସହ ଅସରାଏ ଦୁଇଅସରା ବର୍ଷାର ସମ୍ଭାବନା ରହିଛି ବୋଲି ଜାରି ସତର୍କ ସୂଚନାରେ କହିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ।












Click it and Unblock the Notifications