ଶ୍ରୀମନ୍ଦିରରେ ପୂଜା ପାଉଛନ୍ତି ପଟିଦିଅଁ; ଜାଣନ୍ତୁ କିପରି ଓ କିଏ ତିଆରି କରନ୍ତି ଠାକୁରଙ୍କ ଅଣସର ପଟି ?
ସ୍ନାନ ଯାତ୍ରା ପରେ ଠାକୁରମାନେ ଶ୍ରୀମନ୍ଦିରକୁ ଗୋଟି ପହଣ୍ଡିରେ ଫେରନ୍ତି । ଭିତର କାଠପାଖ ଅଣସର ପିଣ୍ଡିରେ ଠାକୁରମାନେ ବିଜେକରିବା ପରେ ତାଟି ବନ୍ଧାଯାଏ ଓ ପଟିମୂର୍ତ୍ତି ସ୍ଥାପନା କରାଯାଏ । ତା'ପରେ ଏହି ଚତୁର୍ଦ୍ଧାମୂର୍ତ୍ତି ସ୍ନାନପୂର୍ଣ୍ଣିମା ଠାରୁ ନେତ୍ରୋତ୍ସବ ପର୍ଯ୍ୟନ୍ତ ଦୀର୍ଘ ୧୫ ଦିନ ଧରି ଜ୍ୱରରେ ପଡ଼ନ୍ତି । ଏହାକୁ ଅଣସର କୁହାଯାଏ । ଏହି ୧୫ ଦିନ ଭକ୍ତମାନେ ଶ୍ରୀଜିଉମାନଙ୍କର ଦର୍ଶନ ପାଆନ୍ତି ନାହିଁ । ଏହି ସମୟରେ ଭକ୍ତମାନେ ନିକଟସ୍ଥ ବ୍ରହ୍ମଗିରିରେ ପୂଜିତ ହେଉଥିବା ଅଲାରନାଥଙ୍କୁ ଦର୍ଶନ କରନ୍ତି ।
କିପରି ହୁଏ ପଟିଦିଅଁ:
ଦାରୁ ଦେବତାମାନେ ରତ୍ନ ସିଂହାସନରେ ଯେଉଁ ରୂପରେ ପୂଜା ପାଆନ୍ତି ପଟ୍ଟଚିତ୍ରଗୁଡ଼ିକ ସେହି ଆକୃତିର ହୋଇ ନଥାଏ। କାଠ ନିର୍ମିତ ଆସନରେ ବସିଥିବା ପରି ଅଙ୍କିତ ହୋଇଥିବା ଚିତ୍ରରେ ସମସ୍ତ ଦିଅଁ ଚାରି ହାତ ଓ ଦୁଇ ପାଦ ବିଶିଷ୍ଟ ହୋଇ ପଦ୍ମାସନରେ ବସିଥାଆନ୍ତି ।
ବଳଭଦ୍ରଙ୍କୁ ଧଳା ରଙ୍ଗରେ ଚିତ୍ରିତ କରାଯାଇଥାଏ । ସେ ଚାରି ହାତରେ ଶଙ୍ଖ, ଚକ୍ର, ଗଦା ଓ ହଳ ଧରିଥାଆନ୍ତି । ହଳଦିଆ ରଙ୍ଗରେ ଚିତ୍ରିତ ସୁଭଦ୍ରା ଉପର ଦୁଇ ହାତରେ ପଦ୍ମ ଧରିଥିବା ବେଳେ ତଳ ଦୁଇ ହାତ ବରଦା ମୁଦ୍ରାରେ ଥାଏ । ଜଗନ୍ନାଥଙ୍କୁ କଳା ରଙ୍ଗ କରାଯାଇଥିବା ବେଳେ ସେ ଚାରିହାତରେ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଧରିଥାଆନ୍ତି। ସମସ୍ତ ଦେବତାଙ୍କ ପୃଷ୍ଠପଟ୍ଟ ଗାଢ଼ ନାଲି ରଙ୍ଗ ହୋଇଥାଏ।

କେଉଁମାନେ କରନ୍ତି ପଟିଦିଅଁ:
ଅଣସର ପଟିକୁ ବଂଶାନୁକ୍ରମେ କେତେକ ଚିତ୍ରକର ଖୁବ ନିଷ୍ଠାର ସହ ପ୍ରସ୍ତୁତ କରିଥାଆନ୍ତି । ଚିତ୍ର କରିବା ସମୟତକ ସେମାନେ ନିରାମିଷ ଭକ୍ଷଣ କରନ୍ତି । ସେହିପରି କାମ ଚାଲିଥିବା କୋଠରୀକୁ ସ୍ତ୍ରୀ ଲୋକଙ୍କ ପ୍ରବେଶ ନ ଥାଏ । ଚିତ୍ର ପାଇଁ ଧଳାରଙ୍ଗ ଶଂଖରୁ ପ୍ରସ୍ତୁତ ହେଉଥିବା ବେଳେ, କଳାରଙ୍ଗ ପାଇଁ ପୋଲାଙ୍ଗ ଦୀପର କଳା, ହିଙ୍ଗୁଳରୁ ନାଲି, ହରିତାଳରୁ ହଳଦିଆ ଓ ଖଣ୍ଡନୀଳରୁ ନୀଳ ରଙ୍ଗ ପ୍ରସ୍ତୁତ କରାଯାଇଥାଏ ।
ମନ୍ଦିରକୁ କିପରି ଆସେ ପଟିଦିଅଁ:
ସ୍ନାନ ପୂର୍ଣ୍ଣିମା ରାତିରେ, ବାଇଦ ବାଜଣା ସହ ଚିତ୍ରକାରମାନେ ଅଣସର ପଟିଗୁଡ଼ିକୁ ମନ୍ଦିରକୁ ଆଣନ୍ତି । ଆଷାଢ଼ ପ୍ରତିପଦାରୁ ଅମାବାସ୍ୟା ପର୍ଯ୍ୟନ୍ତ ଏକ ପକ୍ଷ ବ୍ୟାପି ଏହି ପଟି ଦେବତାଙ୍କ ଆଗରେ ଭୋଗ ବଢ଼ାଯାଇଥାଏ । ଅଣସର ଘରେ ଠାକୁରମାନଙ୍କୁ ପଣା ଓ ଚକଟା ଭୋଗ ଆଦି କରାଯାଉଥିବା ବେଳେ ପଟିଦିଅଁଙ୍କୁ ଅନ୍ନଭୋଗ କରାଯାଇଥାଏ ।
ଗର୍ଭଗୃହ ସଂଲଗ୍ନ ଦକ୍ଷିଣ ଘରୁ ସେବାୟତମାନେ ସାତଗୋଟି ଚଳନ୍ତି ପ୍ରତିମା ଆଣି ଅଣସର ଘର ବାହାରପଟେ ପକାଯାଇଥିବା ଗୋଟିଏ ଖଟ ଉପରେ ରଖନ୍ତି। ବଳଭଦ୍ରଙ୍କ ଆସ୍ଥାନ ନିକଟରେ ରାମ, ନୃସିଂହ ଓ ଦୋଳଗୋବିନ୍ଦଙ୍କ ବିଗ୍ରହ ରହେ, ସୁଭଦ୍ରାଙ୍କ ନିକଟରେ ରହେ ଲକ୍ଷ୍ମୀ ଓ ସରସ୍ୱତୀଙ୍କ ପିତୁଳା ଏବଂ ଶ୍ରୀଜଗନ୍ନାଥଙ୍କ ସମ୍ମୁଖରେ ରହେ ମଦନମୋହନ ଓ କୃଷ୍ଣଙ୍କ ପ୍ରତିମୂର୍ତ୍ତି।












Click it and Unblock the Notifications