ଆଜି ପ୍ରଥମାଷ୍ଟମୀ: ମାର୍ଗଶିର ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ କାହିଁକି ପାଳନ ହୁଏ ପ୍ରଥମାଷ୍ଟମୀ ? ଏହାର କଣ ରହିଛି ମାହାତ୍ମ୍ୟ
ପ୍ରଥମାଷ୍ଟମୀ ଅଥବା ପଢୁଆଁଷ୍ଟମୀ, ପୋଢୁଆଁଷ୍ଟମୀ ମାର୍ଗଶିର ମାସ କୃଷ୍ଣ ପକ୍ଷର ଅଷ୍ଟମୀ ତିଥି ଦିନ ପାଳନ କରାଯାଏ I ଏହା ଓଡ଼ିଶାର ଏକ ପାରମ୍ପରିକ ପର୍ବ । ଏହା ସୌଭାଗିନୀ ଅଷ୍ଟମୀ, କାଳ ଭୈରବାଷ୍ଟମୀ ବା ପାପ-ନାଶିନୀ ଅଷ୍ଟମୀ ଭାବେ ମଧ୍ୟେ ନାମିତ । ଅତୀତରେ, ମାର୍ଗଶିର ମାସକୁ ବର୍ଷର ଆଦ୍ୟ ମାସ ବା ପ୍ରଥମ ମାସ ବୋଲି ଗଣନା କରାଯାଇ, ଏହି ମାସରୁ ବର୍ଷାରମ୍ଭ ହେଉଥିଲା । ତେଣୁ ବର୍ଷର ପ୍ରଥମ ମାସର ପ୍ରଥମ ଅଷ୍ଟମୀକୁ ପ୍ରଥମାଷ୍ଟମୀ ବୋଲି କୁହାଯାଇଅଛି । ଏ ଦିନ ବଂଶର ପ୍ରଥମ ଜାତ ସନ୍ତାନ (ପୁଅ ବା ଝିଅ)ଙ୍କୁ ନୂଆ ପୋଷାକ ପିନ୍ଧାଇ, ବନ୍ଦାପନା କରାଯାଏ I
ଏହିଦିନ ପରିବାରର ଜ୍ୟେଷ୍ଠ ସନ୍ତାନର ସୁଖ ସମୃଦ୍ଧି ଓ ଦୀର୍ଘଜୀବନ ପାଇଁ ପୂଜାବିଧି ଅନୁଷ୍ଠିତ ହୋଇଥାଏ । ଏହି ଦିନ ସେମାନଙ୍କର ଦୀର୍ଘଜୀବନ କାମନା କରି ମାଆମାନେ ଷଠୀ ଦେବୀଙ୍କର ପୂଜା ଅର୍ଚ୍ଚନା କରିଥାନ୍ତି । ପଞ୍ଚପଲ୍ଲବ ଓ ପଞ୍ଚଶସ୍ୟରେ କଳସପୂଜା ଓ ବରୁଣ ପୂଜା ହୋଇଥାଏ । ଓଡ଼ିଆ ପରମ୍ପରା ଅନୁଯାୟୀ ପ୍ରଥମାଷ୍ଟମୀ ଦିନ ଘରର ଜ୍ୟେଷ୍ଠ ସନ୍ତାନ ସେ କନ୍ୟା ହେଉ କି ପୁତ୍ର ତାକୁ ସ୍ନାନାନ୍ତେ ନୂତନ ବସ୍ତ୍ର ପିନ୍ଧାଇ ଦିଅଁଙ୍କ ଆଗରେ ପିଢ଼ା ଉପରେ ବସାଇ ଦୁଇ କାନରେ ଫୁଲ ଓ ମୁଣ୍ଡରେ ଚନ୍ଦନ ଲଗାଇ ଦୁବ, ବରକୋଳି ପତ୍ର ଓ ହଳଦୀମିଶା ଚାଉଳ ମିଶାଇ ସେଥିରେ ମା'ମାନେ ତାଙ୍କୁ ବନ୍ଦାପନା କରନ୍ତି । ବନ୍ଦାପନା ପରେ ଜ୍ୟେଷ୍ଠ ସନ୍ତାନ ଷଠୀ ଦେବୀଙ୍କୁ ମୁଣ୍ଡିଆ ମାରିବା ସହିତ ପିତାମାତାଙ୍କୁ ଓ ଗୁରୁଜନଙ୍କୁ ମୁଣ୍ଡିଆ ମାରି ଆଶୀର୍ବାଦ ଭିକ୍ଷା କରନ୍ତି । ପରିବାରର ଜ୍ୟେଷ୍ଠ ପୁତ୍ର ବା ଜ୍ୟେଷ୍ଠା କନ୍ୟାର ନବ ବସ୍ତ୍ର ପରିଧାନ ଓ ବନ୍ଦାପନା ହେବାର ଏହି ବିଶେଷ ବିଧିକୁ 'ପଢୁଆଁ ହେବା' କହିଥାନ୍ତି I 'ପଢୁଆଁ' ଶବ୍ଦଟି 'ପ୍ରଥମା'ର ଅପଭ୍ରଂଶ ।

ପରମ୍ପରା ଅନୁଯାୟୀ ଏହି ଦିନ ଜ୍ୟେଷ୍ଠ ସନ୍ତାନ ପିନ୍ଧୁଥିବା ନୂତନ ବସ୍ତ୍ର ମାମୁ ଘରୁ ଆସିଥାଏ । ଏହିଦିନ ମାମୁଁମାନେ ନୂଆଲୁଗା, ମିଷ୍ଟାନ୍ନ ଓ ଅନ୍ୟାନ୍ୟ ସାମଗ୍ରୀ ସହ ଭଣଜା ଭାଣିଜୀ ଘରକୁ ଯାଇ ପଢୁଆଁ କରନ୍ତି । ସେଥିପାଇଁ ମାମୁଁଙ୍କୁ ଶ୍ରଦ୍ଧା ଓ ପରିହାସରେ ଅଷ୍ଟମୀ ବନ୍ଧୁ ବୋଲି କୁହାଯାଏ I ଅବଶ୍ୟ ଜ୍ୟେଷ୍ଠ ପୂର୍ଣ୍ଣିମା ଦିନ ଘରର ଜ୍ୟେଷ୍ଠପୁତ୍ର ବା ଜ୍ୟେଷ୍ଠକନ୍ୟାକୁ ନୂଆ ଲୁଗାପଟା ବାପ ମାଆମାନେ ପିନ୍ଧେଇଥାନ୍ତି ।
ଏହିବିଧିରେ ସାମାଜିକ ଓ ପାରିବାରିକ ବନ୍ଧନ, ଶୃଙ୍ଖଳା ଓ ଆଦର୍ଶବୋଧ ଅତିମାତ୍ରାରେ ନିହିତ ରହିଛି । ଜ୍ୟେଷ୍ଠପୁତ୍ର, ପରିବାରରେ ପିତା ସମାନ । ପିତାଙ୍କ ଅନ୍ତେ କିମ୍ବା ପିତାଙ୍କ ଅକର୍ତ୍ତବ୍ୟରେ ଘର ଚଳାଇବା ଓ ଅନ୍ୟ ସନ୍ତାନ (ଭାଇ ଭଉଣୀ)ମାନଙ୍କୁ ପ୍ରତିପୋଷଣ କରିବା ଦାୟିତ୍ୱ ଜ୍ୟେଷ୍ଠ ପୁତ୍ର ଉପରେ ପଡ଼ିଥାଏ । ତେଣୁ ତାକୁ ସମସ୍ତେ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ପ୍ରଥମାଷ୍ଟମୀ ଓ ଜ୍ୟେଷ୍ଠ ପୂର୍ଣ୍ଣିମା ଦିନ ପ୍ରଥମ ସନ୍ତାନ ବା ଜ୍ୟେଷ୍ଠ ସନ୍ତାନକୁ ପୂଜା ବନ୍ଦାପନା କରିବାର ବିଧି ଆମ ସମାଜରେ ପ୍ରଚଳିତ ।
ଏଣ୍ଡୁରି ପିଠା ପ୍ରଥମାଷ୍ଟମୀର ବିଶେଷତ୍ୱ । ଏହି ପିଠା ପାଇଁ ହଳଦୀପତ୍ରର ବ୍ୟବହାର ମଧ୍ୟ ଅନ୍ୟ ଏକ ବିଶେଷତ୍ୱ । ଅନ୍ୟ କୌଣସି ପିଠାରେ ହଳଦୀ ପତ୍ର ବ୍ୟବହୃତ ହୁଏନାହିଁ I କେବଳ ପ୍ରଥମାଷ୍ଟମୀ ଉପଲକ୍ଷେ ଏଣ୍ଡୁରି ପିଠାରେ ହଳଦୀପତ୍ରର ବ୍ୟବହାର ପ୍ରସିଦ୍ଧ ।
ତନ୍ତ୍ର ସାଧକମାନଙ୍କ ମତରେ ପ୍ରଥମାଷ୍ଟମୀର ରାତ୍ରି ବେଶ୍ ମହତ୍ତ୍ୱପୂର୍ଣ୍ଣ । ତାନ୍ତ୍ରିକ ଭାଷାରେ ଏହାର ନାମ ଘୋରରାତ୍ରି । କୁହାଯାଏ ଆଦିଶକ୍ତି ଏହି ଦିନ କାଳରାତ୍ରି ରୂପେ ଅବତୀର୍ଣ୍ଣ ହୋଇଥିଲେ । ପ୍ରଥମାଷ୍ଟମୀ ଅବସରରେ ଶ୍ରୀମନ୍ଦିରରେ ଲାଗି ରହିଥାଏ ଭକ୍ତଙ୍କ ଭିଡ଼ । ଶ୍ରୀଜିଉଙ୍କୁ ଦର୍ଶନ କରି ଭକ୍ତ ଓ ଶ୍ରଦ୍ଧାଳୁମାନେ ଆଶୀର୍ବାଦ କାମନା କରିଥାନ୍ତି ।
ଆଜି ଓଡ଼ିଶାର ପୁରପଲ୍ଲୀରେ ପ୍ରଥମାଷ୍ଟମୀ ସହ କାଞ୍ଜିଅଅଁଳା ଓଷା ମଧ୍ୟ ପାଳନ ହେଉଛି । ଘରର ସନ୍ତାନମାନଙ୍କ ମଙ୍ଗଳ କାମନା କରି ଷଠୀ ଦେବୀଙ୍କ ପାଖରେ ଶୁଭମନାସୀଛନ୍ତି ମାଆମାନେ । ଷଠୀ ଦେବୀଙ୍କୁ ପୂଜାର୍ଚ୍ଚନା କରି ପରମ୍ପରା ମୁତାବକ ଏହି ଓଷାକୁ ପାଳନ କରାଯାଉଛି ।
-
କ୍ରସ୍ ଭୋଟିଂକୁ ନେଇ ନବୀନଙ୍କ ପ୍ରତିକ୍ରିୟା, କହିଲେ ବିଜେପି... -
କଟକ SCB ଅଗ୍ନିକାଣ୍ଡ ; ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି,ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ -
ବିଧାୟିକା ଉପାସନାଙ୍କ ଭୋଟ୍କୁ ନେଇ ନବୀନଙ୍କ ଅଭିଯୋଗ -
୨ ମାସ ତଳୁ ଯୋଜନା ପ୍ରସ୍ତୁତ ହୋଇଥିଲା, ଜିତିବା ପାଇଁ ଲଢୁଥିଲୁ;ବିଜୟ ମହାପାତ୍ର -
କ୍ରସ୍ ଭୋଟିଂକୁ ନେଇ ପିସିସି ସଭାପତିଙ୍କ ବିସ୍ଫୋରକ ବୟାନ -
ଅଣ୍ଡା ପ୍ରେମୀଙ୍କ ପାଇଁ ଖୁସି ଖବର ; କମିଲା ରେଟ, ଜାଣନ୍ତୁ କେତେ? -
ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ -
କ୍ରସ୍ ଭୋଟିଂ ପାଇଁ କଂଗ୍ରେସରୁ ନିଲମ୍ବନ ହେଲେ ୩ ବିଧାୟକ -
ଉଚ୍ଚସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ -
ଦିଲ୍ଲୀ ହାଇକୋର୍ଟରେ ୧୦କୋଟି ଟଙ୍କାର କେସ୍ ଦାଏର କଲେ କେନ୍ଦ୍ର ମନ୍ତ୍ରୀ ହରଦୀପ ସିଂହ ପୁରୀଙ୍କ ଝିଅ, ଜାଣନ୍ତୁ ପୁରା ଘଟଣା -
ନିର୍ବାଚନ ପୂର୍ବରୁ ମମତାଙ୍କୁ ଝଟକା, ଆକ୍ସନ ମୁଡକୁ ଆସିଲେ ନିର୍ବାଚନ କମିଶନ -
ସାବଧାନ ! ଖାଉଛନ୍ତି କଞ୍ଚା ଆମ୍ବ ତେବେ ନିହାତି ଜାଣନ୍ତୁ ଏହି କଥା, ନଚେତ୍...












Click it and Unblock the Notifications