ଆଜି ଜାତୀୟ ଆଦିବାସୀ ନୃତ୍ୟ ମହୋତ୍ସବର ଶେଷ ସନ୍ଧ୍ୟା
ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଅନ୍ତର୍ଗତ ଏସ୍ସିଏସ୍ଟିଆର୍ଟିଆଇ ଆନୁକୂଲ୍ୟରେ ଆୟୋଜିତ ଜାତୀୟ ଆଦିବାସୀ ନୃତ୍ୟ ମହୋତ୍ସବ ଆଜି ତୃତୀୟ ତଥା ଶେଷ ଦିବସ ।
ଭୁବନେଶ୍ୱର: ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଅନ୍ତର୍ଗତ ଏସ୍ସିଏସ୍ଟିଆର୍ଟିଆଇ ଆନୁକୂଲ୍ୟରେ ଆୟୋଜିତ ଜାତୀୟ ଆଦିବାସୀ ନୃତ୍ୟ ମହୋତ୍ସବ ଆଜି ତୃତୀୟ ତଥା ଶେଷ ଦିବସ । ମେ' ୧୯ ତାରିଖଠାରୁ ରବିନ୍ଦ୍ର ମଣ୍ଡପଠାରେ ଆରମ୍ଭ ହୋଇଥିବା ଏହି ନୃତ୍ୟ ମହୋତ୍ସବରେ ଓଡ଼ିଶା ସମେତ ୧୫ଟି ରାଜ୍ୟ ଅଂଶଗ୍ରହଣ କରିଛନ୍ତି । ଏହି ତ୍ରିଦିବସୀୟ ନୃତ୍ୟ ମହୋତ୍ସବରେ ୨୦ଟି ଜନଜାତି ସଂପ୍ରଦାୟର ସମୁଦାୟ ୩୧ଟି ନୃତ୍ୟ ପରିବେଷଣ କରାଯିବାର କାର୍ଯ୍ୟକ୍ରମ ରହିଛି ।

ଦ୍ୱିତୀୟ ଦିବସରେ ମହାରାଷ୍ଟ୍ରର ଗୋଣ୍ଡ ଜନଜାତିଙ୍କର ପାରମ୍ପାରିକ ଘୁସାଡ଼ି ନୃତ୍ୟ ପରିବେଷିତ ହୋଇଥିଲା । ନୃତ୍ୟ ସମୟରେ କଳାକାରମାନେ ଶରୀରକୁ ଚୂନରେ ପେଣ୍ଟ କରିଥିବାବେଳେ ବିଭିନ୍ନ ମଞ୍ଜିର ହାର ଓ ଛୋଟ ଛୋଟ ଘଣ୍ଟିରେ ସଜାଇ ହୋଇ ଆକର୍ଷଣୀୟ ନୃତ୍ୟ ପରିବେଷଣ କରିଥିଲେ । ସନ୍ଧ୍ୟାରେ ମିଜୋ ଜନଜାତିଙ୍କର ସରଲାମକାଇ ନୃତ୍ୟ, ଓଡ଼ିଶାର ସାନ୍ତାଳ ଜନଜାତିଙ୍କର କଳସି ନୃତ୍ୟ ପରିବେଷିତ ହୋଇଥିଲା । କଳସି ନୃତ୍ୟରେ କଳାକାରମାନେ ନିଜ ପାରମ୍ପରିକ ବେଶଭୂଷାରେ ଡ୍ରମ, ବଂଶୀ ଆଦି ବାଦ୍ୟ ବଜାଇ ନୃତ୍ୟ କରିଥିଲେ ।

ସେହିପରି ଝାଡ଼ଖଣ୍ଡ ଓରାଓଁ ଜନଜାତିଙ୍କର କରମଥାପଡ଼ି ନୃତ୍ୟ, ଓଡ଼ିଶାର ଗଦବା ଜନଜାତିଙ୍କର ଢେମ୍ସା ନୃତ୍ୟ, ଗୋଆର ଭେଲିପ୍ ଜନଜାତିଙ୍କ ଚୌରାଙ୍ଗ ନୃତ୍ୟ, ଛତିଶଗଡ଼ର ଗୌରମାର ମାଣ୍ଡରି ନୃତ୍ୟ, ଆନ୍ଧ୍ରପ୍ରଦେଶର କନ୍ଧ ଜନଜାତିଙ୍କ ମୟୂରାନୃତ୍ୟ, ରାଜସ୍ଥାନର ଭିଲ୍ମିନା ଜନଜାତିଙ୍କ କଚ୍ଚିଘୋଡ଼ି ନୃତ୍ୟ, ଉତ୍ତରାଖଣ୍ଡର ଜୌନସାରି ଜନଜାତିଙ୍କ ହାତୀ ନୃତ୍ୟ, ହିମାଚଳ ପ୍ରଦେଶର ତାଳ ଗାଡ଼ି ଜନଜାତିଙ୍କର ହରନତର ନୃତ୍ୟ ପରିବେଷିତ ହୋଇଥିଲା । ଆଜି ଜାତୀୟ ଆଦିବାସୀ ନୃତ୍ୟ ମହୋତ୍ସବର ଦ୍ୱିତୀୟ ଦିବସରେ ମୁଖ୍ୟ ଅତିଥି ଭାବେ ଏସ୍ସିଏସ୍ଟିଆର୍ଟିଆଇର ନିର୍ଦ୍ଦେଶକ ପ୍ରଫେସର ଅଖିଳ ବିହାରୀ ଓତା କଳାକାରମାନଙ୍କୁ ମଞ୍ଚରେ ସମ୍ବର୍ଦ୍ଧିତ କରିଥିଲେ। ରବୀନ୍ଦ୍ର ମଣ୍ଡପଠାରେ ଅନୁଷ୍ଠିତ ଏହି ଆଦିବାସୀ ନୃତ୍ୟ ମହୋତ୍ସବ ମେ ୨୧ ତାରିଖ ପର୍ଯ୍ୟନ୍ତ ସନ୍ଧ୍ୟା ୬.୩୦ ଠାରୁ ରାତି ୯ଟା ପର୍ଯ୍ୟନ୍ତ ଚାଲିବ।












Click it and Unblock the Notifications