ଆଜି ଧରାବତଣ କରିବେ ପ୍ରଭୁ ଶ୍ରୀକୃଷ୍ଣ, ଜନ୍ମାଷ୍ଟମୀ ନିମନ୍ତେ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି
ପୁରୀ : ଆଜି ପବିତ୍ର ଜନ୍ମାଷ୍ଟମୀ । ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି । ଧରାବତଣ କରିବେ ପ୍ରଭୁ ଶ୍ରୀକୃଷ୍ଣ । ସେଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେଉଛି । ସଂନ୍ଧ୍ୟାଧୂପ ଶେଷ ହେବାପରେ ଶ୍ରୀକୃଷ୍ଣଙ୍କ ଜନ୍ମନୀତି ଅନୁଷ୍ଠିତ ହେବ।
ସୂଚନା ଅନୁସାରେ, ମଙ୍ଗଳବାର ପ୍ରସବ ଯନ୍ତ୍ରଣାରୁ ମୁକ୍ତି ପାଇବା ପାଇଁ ଜେଉଡ଼ା ଭୋଗ ସହ ଗର୍ଭଉଦକ ବନ୍ଦାପନା କରାଯାଇଥିଲା । ସନ୍ଧ୍ୟାଧୂପ ପରେ ଜୟବିଜୟ ଦ୍ୱାର ବନ୍ଦ କରାଯାଇଥିଲା । ଟେରା ବନ୍ଧା ହେବା ପରେ ମହାପ୍ରଭୁଙ୍କ ନିକଟରେ ଜେଉଡ ଭୋଗ ଅର୍ଥାତ ସାଗ, ତରକାରୀ, ପିଠା, ଝିଲି, ଖିରି ଆଦି ରୋଷଘରୁ ଆସି ଅଣସର ପିଣ୍ଡିରେ ରଖା ଯାଇଥିଲା ।
ମୁଦିରସ୍ତ ସେବାୟତ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ପ୍ରସାଦ ଲାଗି କରିଥିଲେ । ପୂଜାପଣ୍ଡା ସେବାୟତ ପଞ୍ଚାକ୍ଷର ମନ୍ତ୍ରରେ ପୂଜା କରିବା ସହ ପୂଜାପଣ୍ଡା, ପତି ମହାପାତ୍ର ଓ ମୁଦିରସ୍ତ ତିନିବାଡରେ ବନ୍ଦାପନା କରିଥିଲେ । ଏହାକୁ ଗର୍ଭଉଦକ ବନ୍ଦାପନା କୁହାଯାଇଥାଏ।
ସ୍ୱୟଂ ଶ୍ରୀଜଗନ୍ନାଥ ମହାପ୍ରଭୁ ଦେବକୀ ରୂପ ଧାରଣକରି ଗର୍ଭଧାରଣ କରିଥିବାରୁ ସୁଖ ପ୍ରସବ ଲାଗି ତାଙ୍କୁ ଜେଉଡ ପ୍ରସାଦ ଲାଗି କରାଯାଇଥାଏ । ଏହି ନୀତିକାନ୍ତିରେ ସେବାୟତମାନଙ୍କ ଅନେକ
ଭୂମିକା ରହିଥାଏ । ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମ ଠାରୁ କଂସ ବଦ୍ଧ ପର୍ଯ୍ୟନ୍ତ ନୀତିକାନ୍ତି ଅନୁଷ୍ଠିତ ହୋଇଥାଏ ।

ଓଡ଼ିଶାର ପୁରପଲ୍ଲୀରେ ଏହି ଉତ୍ସବ ମହା ସମାରୋହରେ ପାଳନ କରାଯାଏ । ଏହିଦିନ ଲୋକେ ଉପବାସ ରଖିଥାନ୍ତି, ଓ ରାତ୍ରି ୧୨ ଘଟିକାକୁ କୃଷ୍ଣଜନ୍ମ ଉତ୍ସବ ପାଳନ କରିସାରି ଉପବାସ ଭାଙ୍ଗିଥାନ୍ତି। ଏହିଦିନ ଗାଁର ଭାଗବତ ଟୁଙ୍ଗୀମାନଙ୍କରେ ଅଥବା କାହାରି ଘର ବା ମଠ ମନ୍ଦିରରେ ହରିବଂଶ ପୁରାଣ ପାଠ କରାଯାଏ ।
ଜନ୍ମାଷ୍ଟମୀର ପରବର୍ତ୍ତୀ ଦିନ ନନ୍ଦୋତ୍ସବ ପାଳନ କରାଯାଏ। ନନ୍ଦରାଜ ଓ ଯଶୋଦାରାଣୀଙ୍କ ଆନନ୍ଦକୁ ମନେ ପକାଇବାପାଇଁ ଏହି ଦିନ ଲୋକେ ଗାୟନ କୀର୍ତ୍ତନ କରିଥାନ୍ତି ଓ ନିଜର ଉପବାସ ଭାଙ୍ଗି ବଡ଼ି ସକାଳୁ ମିଷ୍ଟାନ୍ନ ଆଦାନ ପ୍ରଦାନ କରିଥାନ୍ତି ଓ ସେବନ କରିଥାନ୍ତି ।












Click it and Unblock the Notifications